Bible 2 India Mobile
[VER] : [ODIYA]     [PL]  [PB] 
 <<  2 Thessalonians 3 >> 

1ଶେଷରେ, ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, ଯେପରି ପ୍ରଭୁଙ୍କ ବାକ୍ୟ ତୁମ୍ଭମାନଙ୍କ ମଧ୍ୟରେ ଯେପରି, ସେହିପରି ଚାରିଆଡ଼େ ଶୀଘ୍ର ବ୍ୟାପିଯାଇ ଗୌରବ ପାଇବ,

2ପୁଣି, ଯେପରି ଆମ୍ଭେମାନେ ଅବିବେଚକ ଓ ଦୁଷ୍ଟ ଲୋକମାନଙ୍କଠାରୁ ଉଦ୍ଧାର ପାଇବୁ; କାରଣ ସମସ୍ତଙ୍କର ବିଶ୍ୱାସ ନାହିଁ ।

3କିନ୍ତୁ ପ୍ରଭୁ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସ୍ଥିର କରି ମନ୍ଦରୁ ରକ୍ଷା କରିବେ ।

4ଆମ୍ଭେମାନେ ଯେଉଁ ସବୁ ଆଦେଶ ଦେଉଅଛୁ, ସେହି ସବୁ ଯେ ତୁମ୍ଭେମାନେ କରୁଅଛ ଓ କରିବ, ଏହା ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଆମ୍ଭମାନଙ୍କର ଦୃଢ଼ ବିଶ୍ୱାସ ।

5ଆଉ ପ୍ରଭୁ ତୁମ୍ଭମାନଙ୍କ ହୃଦୟକୁ ଈଶ୍ୱରଙ୍କ ପ୍ରେମ ଓ ଖ୍ରୀଷ୍ଟଙ୍କ ସହିଷ୍ଣୁତା ରୂପ ପଥରେ କଢାଉନ୍ତୁ ।

6ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଉଅଛୁ, ଯେକୌଣସି ଭାଇ ଆମ୍ଭମାନଙ୍କଠାରୁ ପାଇଥିବା ଶିକ୍ଷା ଅନୁସାରେ ଆଚରଣ ନ କରି ଆଳସ୍ୟରେ ଜୀବନ କାଟେ, ତାହାଠାରୁ ଆପଣା ଆପଣାକୁ ଅଲଗା କର ।

7କାରଣ କିପରି ଅାମ୍ଭମାନଙ୍କୁ ଅନୁସରଣ କରିବା ତୁମ୍ଭମାନଙ୍କର ଉଚିତ, ତାହା ତୁମ୍ଭେମାନେ ନିଜେ ଜାଣୁଅଛ; ଯେଣୁ ଆମ୍ଭେମାନେ ତୁମ୍ଭମାନଙ୍କ ମଧ୍ୟରେ ଆଳସ୍ୟର ଜୀବନ କାଟି ନ ଥିଲୁ,

8କିଅବା ବିନାମୂଲ୍ୟରେ କାହାରି ଖାଦ୍ୟ ଖାଇ ନ ଥିଲୁ, ବରଂ ତୁମ୍ଭମାନଙ୍କ ମଧ୍ୟରୁ କାହାର ଭାର ସ୍ୱରୂପ ନ ହେବା ପାଇଁ ପରିଶ୍ରମ ଓ କଷ୍ଟ ସହିତ ଦିନରାତି କାମ କରିଥିଲୁ;

9ତୁମ୍ଭମାନଙ୍କଠାରୁ କିଛି ଗ୍ରହଣ କରିବାକୁ ଯେ ଆମ୍ଭମାନଙ୍କର ଅଧିକାର ନାହିଁ, ତାହା ନୁହେଁ, କିନ୍ତୁ ଯେପରି ତୁମ୍ଭେମାନେ ଆମ୍ଭମାନଙ୍କୁ ଅନୁସରଣ କର; ଏନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ଆପଣା ଆପଣାକୁ ଆଦର୍ଶରୂପେ ଦେଖାଇବା ପାଇଁ ସେପରି କଲୁ ।

10କାରଣ ତୁମ୍ଭମାନଙ୍କ ସହିତ ଥିବା ସମୟରେ ହିଁ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲୁ, ଯେ କେହି କାର୍ଯ୍ୟ କରିବାକୁ ଇଚ୍ଛା କରେ ନାହିଁ, ସେ ଭୋଜନ ମଧ୍ୟ ନ କରୁ ।

11ଯେଣୁ ତୁମ୍ଭମାନଙ୍କ ମଧ୍ୟରେ କେହି କେହି ଆଳସ୍ୟର ଜୀବନ କାଟୁଅଛନ୍ତି ଓ କୌଣସି କାର୍ଯ୍ୟ ନ କରି ଅନଧିକାର ଚର୍ଚ୍ଚାରେ ବ୍ୟସ୍ତ ଅଟନ୍ତି ବୋଲି ଆମ୍ଭେମାନେ ଶୁଣୁଅଛୁ ।

12ଏହି ପ୍ରକାର ଲୋକମାନଙ୍କୁ ଶାନ୍ତ ଭାବରେ କାର୍ଯ୍ୟ କରି ନିଜ ନିଜର ଖାଦ୍ୟ ଖାଇବାକୁ ଆମ୍ଭେମାନେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଓ ଚେତନା ଦେଉଅଛୁ ।

13କିନ୍ତୁ ହେ ଭାଇମାନେ, ସତ୍କର୍ମ କରିବାରେ ତୁମ୍ଭେମାନେ କ୍ଲାନ୍ତ ହୁଅ ନାହିଁ ।

14ଆଉ ଯେବେ କେହି ଏହି ପତ୍ରରେ ଲେଖାଯାଇଥିବା ଆମ୍ଭମାନଙ୍କ କଥା ନ ମାନେ, ତେବେ ସେହି ଲୋକକୁ ଚିହ୍ନି ରଖ, ପୁଣି, ସେ ଯେପରି ଲଜ୍ଜିତ ହୁଏ, ଏଥି ନିମନ୍ତେ ତାହା ସହିତ ସମ୍ପର୍କ ରଖ ନାହିଁ;

15ତଥାପି ତାହାକୁ ଶତ୍ରୁ ବୋଲି ଭାବ ନାହିଁ, ମାତ୍ର ତାହାକୁ ଭାଇ ବୋଲି ଭାବି ସତର୍କ କରାଅ ।

16ଶାନ୍ତିଦାତା ପ୍ରଭୁ ନିଜେ ତୁମ୍ଭମାନଙ୍କୁ ସର୍ବଦା ଓ ସବୁପ୍ରକାର ଶାନ୍ତି ଦେଉନ୍ତୁ । ପ୍ରଭୁ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉନ୍ତୁ ।

17ମୁଁ ପାଉଲ ମୋହର ନିଜ ହସ୍ତରେ ଲେଖି ନମସ୍କାର ଜଣାଉଅଛି; ପ୍ରତ୍ୟେକ ପତ୍ରରେ ଏହା ଚିହ୍ନ ସ୍ୱରୂପ, ମୁଁ ଏହିପରି ଲେଖେ ।

18ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ ।


  Share Facebook  |  Share Twitter

 <<  2 Thessalonians 3 >> 


Bible2india.com
© 2010-2024
Help
Dual Panel

Laporan Masalah/Saran