Bible 2 India Mobile
[VER] : [ODIYA]     [PL]  [PB] 
 <<  Proverbs 12 >> 

1ଯେଉଁ ଲୋକ ଶାସନ ଭଲ ପାଏ, ସେ ଜ୍ଞାନ ଭଲ ପାଏ; ମାତ୍ର ଯେ ଅନୁଯୋଗ ଘୃଣା କରେ, ସେ ପଶୁ ତୁଲ୍ୟ ।

2ସତ୍‍-ଲୋକ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଇବ, ମାତ୍ର କୁକଳ୍ପନାକାରୀକୁ ସେ ଦୋଷୀ କରିବେ ।

3ଦୁଷ୍ଟତା ଦ୍ୱାରା କୌଣସି ମନୁଷ୍ୟ ସୁସ୍ଥିର ହେବ ନାହିଁ, କିନ୍ତୁ ଧାର୍ମିକର ମୂଳ କେବେ ଘୁଞ୍ଚା ଯିବ ନାହିଁ ।

4ଗୁଣବତୀ ସ୍ତ୍ରୀ ଆପଣା ସ୍ୱାମୀର ମୁକୁଟ ସ୍ୱରୂପ; ମାତ୍ର ଲଜ୍ଜାଦାୟିନୀ ସ୍ତ୍ରୀ ତାହାର ହାଡ଼ସବୁର କ୍ଷୟ ସ୍ୱରୂପ ।

5ଧାର୍ମିକମାନଙ୍କର ସଙ୍କଳ୍ପ ଯଥାର୍ଥ; ମାତ୍ର ଦୁଷ୍ଟମାନଙ୍କର ପରାମର୍ଶ ପ୍ରବଞ୍ଚନାଯୁକ୍ତ ।

6ଦୁଷ୍ଟମାନେ ରକ୍ତପାତ କରିବା ପାଇଁ ଛକି ବସିବାର କଥା କହନ୍ତି, ମାତ୍ର ସରଳ ଲୋକମାନଙ୍କର ମୁଖ ସେମାନଙ୍କୁ ରକ୍ଷା କରେ ।

7ଦୁଷ୍ଟମାନେ ଉତ୍ପାଟିତ ହୋଇ ଆଉ ନ ଥାଆନ୍ତି, ମାତ୍ର ଧାର୍ମିକମାନଙ୍କର ଗୃହ ସ୍ଥାୟୀ ହେବ ।

8ମନୁଷ୍ୟ ଆପଣା ସୁବୁଦ୍ଧି ଅନୁସାରେ ପ୍ରଶଂସା ପାଇବ, ମାତ୍ର ଯାହାର କୁଟିଳ ଅନ୍ତଃକରଣ, ସେ ତୁଚ୍ଛୀକୃତ ହେବ ।

9ଯେଉଁ ଲୋକ ତୁଚ୍ଛୀକୃତ, ଆଉ ଯାହାର ଦାସ ଅଛି, ସେ ଖାଦ୍ୟହୀନ ଆତ୍ମପ୍ରଶଂସୀଠାରୁ ଶ୍ରେଷ୍ଠ ।

10ଧାର୍ମିକ ମନୁଷ୍ୟ ଆପଣା ପଶୁର ପ୍ରାଣକୁ ଆଦର କରେ, ମାତ୍ର ଦୁଷ୍ଟମାନଙ୍କର କରୁଣା ନିଷ୍ଠୁର ।

11ଯେ ଆପଣା ଭୂମି ଚାଷ କରେ, ସେ ଯଥେଷ୍ଟ ଆହାର ପାଇବ; ମାତ୍ର ଯେ ଅସାର ବିଷୟରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ ।

12ଦୁଷ୍ଟ ଲୋକ କୁକର୍ମକାରୀମାନଙ୍କ ଜାଲକୁ ଲୋଭ କରେ; ମାତ୍ର ଧାର୍ମିକର ମୂଳ ଫଳଦାୟକ ।

13ଓଷ୍ଠର ଅଧର୍ମରେ ଦୁଷ୍ଟର ଫାନ୍ଦ ଥାଏ, ମାତ୍ର ଧାର୍ମିକ ଦୁଃଖରୁ ଉଦ୍ଧାର ପାଇବ ।

14ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳରେ ପରିତୃପ୍ତ ହେବ, ପୁଣି, ମନୁଷ୍ୟର ହସ୍ତକୃତ କର୍ମଫଳ ତାହାକୁ ଦିଆଯିବ ।

15ଅଜ୍ଞାନର ପଥ ତାହାର ନିଜ ଦୃଷ୍ଟିରେ ଯଥାର୍ଥ; ମାତ୍ର ଯେ ଜ୍ଞାନବାନ୍, ସେ ପରାମର୍ଶ ଶୁଣେ ।

16ଅଜ୍ଞାନର ବିରକ୍ତି ହଠାତ୍‍ ପ୍ରକାଶ ପାଏ; ମାତ୍ର ଚତୁର ଲୋକ ଲଜ୍ଜା ଢାଙ୍କେ ।

17ସତ୍ୟବାଦୀ ଧାର୍ମିକତା ପ୍ରକାଶ କରେ; ମାତ୍ର ମିଥ୍ୟାସାକ୍ଷୀ ପ୍ରବଞ୍ଚନା ପ୍ରକାଶ କରେ ।

18କାହାର କାହାର ବାଚାଳତା ଖଡ଼୍‍ଗାଘାତ ପରି; ମାତ୍ର ଜ୍ଞାନୀର ଜିହ୍ୱା ସ୍ୱାସ୍ଥ୍ୟଜନକ ।

19ସତ୍ୟବାଦୀ ଓଷ୍ଠ ନିତ୍ୟସ୍ଥାୟୀ ହେବ; ମାତ୍ର ମିଥ୍ୟାବାଦୀ ଜିହ୍ୱା ପଲକ ମାତ୍ର ।

20ଅନିଷ୍ଟଚିନ୍ତାକାରୀର ହୃଦୟରେ ପ୍ରବଞ୍ଚନା ଥାଏ; ମାତ୍ର ଶାନ୍ତି-ପରାମର୍ଶଦାତାମାନଙ୍କର ଆନନ୍ଦ ହୁଏ ।

21ଧାର୍ମିକ ପ୍ରତି କୌଣସି ବିପଦ ଘଟିବ ନାହିଁ; ମାତ୍ର ଦୁଷ୍ଟ ଲୋକ ଅନିଷ୍ଟରେ ପରିପୂର୍ଣ୍ଣ ହେବ ।

22ମିଥ୍ୟାବାଦୀ ଓଷ୍ଠ ସଦାପ୍ରଭୁଙ୍କ ଘୃଣା ବିଷୟ; ମାତ୍ର ଯେଉଁମାନେ ସତ୍ୟ ବ୍ୟବହାର କରନ୍ତି, ସେମାନେ ତାହାଙ୍କର ତୁଷ୍ଟିକର ।

23ଚତୁର ଲୋକ ଜ୍ଞାନ ଆଚ୍ଛାଦନ କରେ; ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ ।

24କର୍ମଶୀଳର ହସ୍ତ କର୍ତ୍ତୃତ୍ୱ କରିବ; ମାତ୍ର ଅଳସୁଆ ଲୋକ ବେଠି କରିବ ।

25ମନୁଷ୍ୟର ଚିନ୍ତା ମନକୁ ନତ କରେ; ମାତ୍ର ମଙ୍ଗଳର ବାକ୍ୟ ତାହାର ହରଷ ଜନ୍ମାଏ ।

26ଧାର୍ମିକ ଲୋକ ଆପଣା ପ୍ରତିବାସୀର ପଥଦର୍ଶକ; ମାତ୍ର ଦୁଷ୍ଟମାନଙ୍କ ପଥ ସେମାନଙ୍କୁ ଭୁଲାଏ ।

27ଅଳସୁଆ ମୃଗୟାରେ ଧରିଲା ପଶୁକୁ ପାକ କରେ ନାହିଁ; ମାତ୍ର ମନୁଷ୍ୟମାନଙ୍କର ବହୁମୂଲ୍ୟ ସମ୍ପତ୍ତି ପରିଶ୍ରମୀର ପକ୍ଷରେ ।

28ଧାର୍ମିକତାରୂପ ପଥରେ ଜୀବନ ଥାଏ; ପୁଣି, ତହିଁର ଗମନ-ମାର୍ଗରେ ମୃତ୍ୟୁ ନ ଥାଏ ।


  Share Facebook  |  Share Twitter

 <<  Proverbs 12 >> 


Bible2india.com
© 2010-2024
Help
Dual Panel

Laporan Masalah/Saran