Bible 2 India Mobile
[VER] : [ODIYA]     [PL]  [PB] 
 <<  Proverbs 31 >> 

1ଲମୂୟେଲ ରାଜାର କଥା: ଅର୍ଥାତ୍‍, ତାହାର ମାତା ତାହାକୁ ଯାହା ଶିଖାଇଥିଲା, ସେହି ଭାରୋକ୍ତି ।

2ହେ ମୋହର ପୁତ୍ର, ହେ ମୋ' ଗର୍ଭର ପୁତ୍ର, ହେ ମୋ' ମାନତର ପୁତ୍ର, କଅଣ କହିବି ?

3ତୁମ୍ଭେ ସ୍ତ୍ରୀଲୋକଙ୍କୁ ଆପଣା ବଳ ଦିଅ ନାହିଁ, ଅବା ରାଜାମାନେ ଯହିଁରେ ବିନଷ୍ଟ ହୁଅନ୍ତି, ତହିଁରେ ଗତି କର ନାହିଁ ।

4ହେ ଲମୂୟେଲ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ ନୁହେଁ, ରାଜାମାନଙ୍କର ଉଚିତ ନୁହେଁ; କିଅବା ମଦ୍ୟ କାହିଁ ବୋଲି କହିବା ଭୂପତିମାନଙ୍କର ଉଚିତ ନୁହେଁ ।

5ସେମାନେ ପାନ କଲେ, ବ୍ୟବସ୍ଥା ପାସୋରି ଦୁଃଖୀସନ୍ତାନ ସମସ୍ତଙ୍କର ବିଚାର ବିପରୀତ କରିବେ ।

6ମୃତକଳ୍ପ ଲୋକକୁ ମଦ୍ୟ ଦିଅ ଓ ତିକ୍ତମନା ଲୋକକୁ ଦ୍ରାକ୍ଷାରସ ଦିଅ ।

7ସେ ଲୋକ ପାନ କରି ଆପଣା ଦରିଦ୍ରତା ପାସୋରୁ ଓ ଆପଣା କ୍ଳେଶ ଆଉ ମନରେ ନ କରୁ ।

8ଘୁଙ୍ଗା ଲୋକଙ୍କ ପକ୍ଷରେ, ସମସ୍ତ ଅନାଥଙ୍କ ପକ୍ଷରେ, ଆପଣା ମୁଖ ଫିଟାଅ ।

9ମୁଖ ଫିଟାଇ ଯଥାର୍ଥ ବିଚାର କର, ପୁଣି, ଦୁଃଖୀ ଓ ଦରିଦ୍ରମାନଙ୍କର ସୁବିଚାର କର ।

10ଗୁଣବତୀ ସ୍ତ୍ରୀ କିଏ ପାଇପାରେ ? ମୁକ୍ତାଠାରୁ ହିଁ ତାହାର ମୂଲ୍ୟ ଅଧିକ ।

11ତାହାର ସ୍ୱାମୀର ହୃଦୟ ତାହାଠାରେ ନିର୍ଭର କରେ, ପୁଣି, ତାହାର ଲାଭର ଅଭାବ ହୁଏ ନାହିଁ ।

12ସେ ଜୀବନଯାଏ ସ୍ୱାମୀର କ୍ଷତି ନ କରି ମଙ୍ଗଳ କରେ ।

13ସେ ମେଷଲୋମ ଓ ମସିନା ଖୋଜି ସନ୍ତୋଷରେ ଆପଣା ହସ୍ତରେ କର୍ମ କରେ ।

14ସେ ବାଣିଜ୍ୟ-ଜାହାଜ ତୁଲ୍ୟ; ସେ ଦୂରରୁ ଆପଣା ଆହାର ଆଣେ ।

15ମଧ୍ୟ ସେ ରାତ୍ରି ଥାଉ ଥାଉ ଉଠେ ଓ ଆପଣା ପରିଜନ ସମସ୍ତଙ୍କୁ ଖାଦ୍ୟ ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ ।

16ସେ କ୍ଷେତ୍ରର ବିଷୟ ବୁଝି ତାହା କିଣେ, ସେ ଆପଣା ହସ୍ତର ଫଳ ଦେଇ ଦ୍ରାକ୍ଷାକ୍ଷେତ୍ର ରୋପଣ କରେ ।

17ସେ ବଳରେ ଆପଣା ଅଣ୍ଟା ବାନ୍ଧେ ଓ ଆପଣା ବାହୁ ବଳବାନ କରେ ।

18ଆପଣା ବ୍ୟାପାର ଯେ ଲାଭଜନକ, ଏହା ସେ ବୁଝେ; ପୁଣି, ରାତ୍ରିକାଳରେ ତାହାର ପ୍ରଦୀପ ଲିଭିଯାଏ ନାହିଁ ।

19ସେ ଚରଖାକୁ ହାତ ବଢ଼ାଏ, ପୁଣି, ତାହାର ହସ୍ତ ତାକୁଡ଼ି ଧରେ ।

20ସେ ଦୁଃଖୀ ଲୋକମାନଙ୍କ ପ୍ରତି ମୁକ୍ତହସ୍ତା ହୁଏ ଓ ଦରିଦ୍ରମାନଙ୍କ ପ୍ରତି ଆପଣା ହାତ ବଢ଼ାଏ ।

21ସେ ହିମ ଲାଗି ଆପଣା ପରିବାର ବିଷୟରେ ଭୟ କରେ ନାହିଁ; ଯେହେତୁ ତାହାର ସମସ୍ତ ପରିବାର ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧନ୍ତି ।

22ସେ ଆପଣା ନିମନ୍ତେ ଚିତ୍ରବିଚିତ୍ର ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରେ, ପୁଣି, ସେ ଶୁଭ୍ର କ୍ଷୌମବସ୍ତ୍ର ଓ ଧୂମ୍ରବର୍ଣ୍ଣ ବସ୍ତ୍ର ପିନ୍ଧେ ।

23ତାହାର ସ୍ୱାମୀ ଦେଶୀୟ ପ୍ରାଚୀନମାନଙ୍କ ସଙ୍ଗେ ନଗର-ଦ୍ୱାରରେ ବସିବା ବେଳେ ଚିହ୍ନାଯାଏ ।

24ସେ ସୂକ୍ଷ୍ମବସ୍ତ୍ର ପ୍ରସ୍ତୁତ କରି ବିକ୍ରୟ କରେ, ପୁଣି, ବଣିକମାନଙ୍କ ହସ୍ତରେ କଟିବନ୍ଧନ ସମର୍ପଣ କରେ ।

25ବଳ ଓ ଶୋଭା ତାହାର ବସ୍ତ୍ର ସ୍ୱରୂପ; ପୁଣି, ଭବିଷ୍ୟତକାଳ ବିଷୟରେ ସେ ହାସ୍ୟ କରେ ।

26ସେ ଜ୍ଞାନରେ ଆପଣା ମୁଖ ଫିଟାଏ; ତାହାର ଜିହ୍ୱାରେ ଦୟାର ବ୍ୟବସ୍ଥା ଥାଏ ।

27ସେ ଆପଣା ପରିବାରର ଆଚରଣରେ ମନୋଯୋଗ କରେ, ପୁଣି, ଆଳସ୍ୟର ଆହାର ଖାଏ ନାହିଁ ।

28ତାହାର ସନ୍ତାନମାନେ ଉଠି ତାହାକୁ ଧନ୍ୟ ଧନ୍ୟ କହନ୍ତି ଓ ତାହାର ସ୍ୱାମୀ ହିଁ ତାହାକୁ (ଏରୂପ) ପ୍ରଶଂସା କରେ;

29ଅନେକ କନ୍ୟା ଗୁଣ ଦେଖାଇ ଅଛନ୍ତି, ମାତ୍ର ତୁମ୍ଭେ ସେସମସ୍ତଙ୍କ ଅପେକ୍ଷା ଶ୍ରେଷ୍ଠ ।

30ଲାବଣ୍ୟ ପ୍ରବଞ୍ଚନାଜନକ ଓ ସୌନ୍ଦର୍ଯ୍ୟ ଅସାର; ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହେବ ।

31ତାହାର ହାତର ଫଳ ତାହାକୁ ଦିଅ, ପୁଣି, ତାହାର ନିଜ କର୍ମ ନଗର-ଦ୍ୱାରରେ ତାହାର ପ୍ରଶଂସା କରୁ ।


  Share Facebook  |  Share Twitter

 <<  Proverbs 31 >> 


Bible2india.com
© 2010-2024
Help
Dual Panel

Laporan Masalah/Saran