Bible 2 India Mobile
[VER] : [ODIYA]     [PL]  [PB] 
 <<  The Song of Songs 6 >> 

1ହେ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ, ତୁମ୍ଭର ପ୍ରିୟତମ କେଉଁଆଡ଼େ ଯାଇଅଛନ୍ତି ? ତୁମ୍ଭ ସଙ୍ଗେ ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ତୁମ୍ଭ ପ୍ରିୟତମ କେଉଁଆଡେ ଯାଇଛନ୍ତି କୁହ ?

2ମୋହର ପ୍ରିୟତମ ଆପଣା ଉଦ୍ୟାନକୁ, ସୁଗନ୍ଧି ଲତାର କିଆରିକୁ, ଉଦ୍ୟାନସମୂହରେ (ପଲ) ଚରାଇବାକୁ ଓ କଇଁ ଫୁଲ ସଂଗ୍ରହ କରିବାକୁ ଯାଇଅଛନ୍ତି ।

3ମୁଁ ଆପଣା ପ୍ରିୟତମଙ୍କର ଓ ମୋ' ପ୍ରିୟତମ ମୋହର; ସେ ଶୋଶନ୍‍ ପୁଷ୍ପ ବନରେ ଆପଣା ପଲ ଚରାନ୍ତି ।

4ହେ ମୋହର ପ୍ରିୟେ, ତୁମ୍ଭେ ତିର୍ସା ପରି ସୁନ୍ଦରୀ, ଯିରୁଶାଲମ ପରି ଶୋଭାବତୀ, ଧ୍ୱଜାଧାରୀ ସୈନ୍ୟ ପରି ଭୟଙ୍କରୀ ।

5ତୁମ୍ଭେ ମୋ' ଆଡ଼ୁ ଆପଣା ଆଖି ଫେରାଅ, କାରଣ ତଦ୍ଦ୍ୱାରା ମୁଁ ପରାସ୍ତ ହୋଇଅଛି । ତୁମ୍ଭର କେଶ ଗିଲିୟଦ ପାଶ୍ୱର୍ରେ ଆରାମକାରୀ ଛେଳିପଲ ତୁଲ୍ୟ ।

6ତୁମ୍ଭର ଦନ୍ତ-ପଂକ୍ତି ସ୍ନାନରୁ ଉତ୍‍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ ।

7ତୁମ୍ଭ ଓଢ଼ଣା ତଳେ ତୁମ୍ଭର ଗାଲ ଡାଳିମ୍ବଖଣ୍ଡ ସଦୃଶ ।

8ଷାଠିଏ ରାଣୀ ଓ ଅଶୀ ଉପପତ୍ନୀ ଓ ଅସଂଖ୍ୟ ଯୁବତୀ ଅଛନ୍ତି ।

9ମାତ୍ର ମୋ' କପୋତୀ, ମୋ' ଶୁଦ୍ଧମତି ଅଦ୍ୱିତୀୟା; ସେ ଆପଣା ମାତାର ଏକମାତ୍ର; ସେ ଆପଣା ଗର୍ଭଧାରିଣୀର ମନୋନୀତା । କନ୍ୟାମାନେ ତାହାକୁ ଦେଖି ଧନ୍ୟା ବୋଲି କହିଲେ; ହଁ, ରାଣୀ ଓ ଉପପତ୍ନୀଗଣ ତାହାକୁ ପ୍ରଶଂସା କଲେ ।

10ଏହି ଯେ ଅରୁଣ ତୁଲ୍ୟ ଉଦୀୟମାନା, ଚନ୍ଦ୍ରମା ତୁଲ୍ୟ ସୁନ୍ଦରୀ, ସୂର୍ଯ୍ୟ ତୁଲ୍ୟ ବିଶୁଦ୍ଧା, ଧ୍ୱଜାବିଶିଷ୍ଟ ସୈନ୍ୟ ତୁଲ୍ୟ ଭୟଙ୍କରୀ, ସେ କିଏ ?

11ମୁଁ ଉପତ୍ୟକାର ନବୀନ ବୃକ୍ଷସବୁ ଦେଖିବାକୁ, ଦ୍ରାକ୍ଷାଲତା ପଲ୍ଲବିତ ହୋଇଅଛି କି ନାହିଁ ଓ ଡାଳିମ୍ବ ଫୁଲ ଧରିଅଛି କି ନାହିଁ, ଦେଖିବାକୁ ଆକ୍‍ରୋଟ୍‍ ଉଦ୍ୟାନକୁ ଗଲି ।

12ମୁଁ ଜ୍ଞାତ ହେବା ପୂର୍ବେ ମୋହର ପ୍ରାଣ ମୋ' ରାଜକୀୟ ଲୋକମାନଙ୍କ ରଥ ମଧ୍ୟରେ ମୋତେ ରଖିଲା ।

13ହେ ଶୂଲମିୟେ, ଫେର, ଫେର; ଆମ୍ଭେମାନେ ତୁମ୍ଭକୁ ଦେଖିବା, ଫେର, ଫେର । ମହନୟିମସ୍ଥ ନୃତ୍ୟକୁ ଯେପରି, ସେପରି କାହିଁକି ତୁମ୍ଭେମାନେ ଶୂଲମିୟାକୁ ଅନାଇବ ?


  Share Facebook  |  Share Twitter

 <<  The Song of Songs 6 >> 


Bible2india.com
© 2010-2024
Help
Dual Panel

Laporan Masalah/Saran