Bible 2 India Mobile
[VER] : [ODIYA]     [PL]  [PB] 
 <<  Matthew 24 >> 

1ଯୀଶୁ ମନ୍ଦିରରୁ ବାହାରି ଚାଲିଯାଉଥିବା ସମୟରେ ତାହାଙ୍କର ଶିଷ୍ୟମାନେ ତାହାଙ୍କୁ ମନ୍ଦିରର ପ୍ରାସାଦସମୂହ ଦେଖାଇବା ପାଇଁ ତାହାଙ୍କ ନିକଟକୁ ଆସିଲେ, କିନ୍ତୁ ସେ ସେମାନଙ୍କୁ କହିଲେ,

2ତୁମ୍ଭେମାନେ କ'ଣ ଏହି ସମସ୍ତ ଦେଖୁ ନାହଁ ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସ୍ଥାନରେ ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ ।

3ପରେ ସେ ଜୀତପର୍ବତ ଉପରେ ବସନ୍ତେ ଶିଷ୍ୟମାନେ ତାହାଙ୍କ ଛାମୁକୁ ଗୋପନରେ ଆସି ପଚାରିଲେ, ଏସବୁ କେବେ ଘଟିବ, ପୁଣି, ଆପଣଙ୍କ ଆଗମନ ଓ ଯୁଗାନ୍ତର ଲକ୍ଷଣ କ'ଣ, ତାହା ଆମ୍ଭମାନଙ୍କୁ କୁହନ୍ତୁ ।

4ସେଥିରେ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ ।

5କାରଣ ଅନେକେ ମୋ ନାମରେ ଆସି ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ ।

6ଆଉ, ତୁମ୍ଭେମାନେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ; ସାବଧାନ, ବ୍ୟାକୁଳ ହୁଅ ନାହିଁ । କାରଣ ଏହି ସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ଯୁଗାନ୍ତ ନୁହେଁ ।

7କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଦୁର୍ଭିକ୍ଷ ଓ ଭୂମିକମ୍ପ ହେବ ।

8କିନ୍ତୁ ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର ।

9ସେହି ସମୟରେ ଲୋକେ ତୁମ୍ଭମାନଙ୍କୁ କଷ୍ଟ ଭୋଗିବା ପାଇଁ ସମର୍ପଣ କରିବେ ଓ ତୁମ୍ଭମାନଙ୍କୁ ବଧ କରିବେ, ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତ ଜାତିଙ୍କ ଦ୍ୱାରା ଘୃଣିତ ହେବ।

10ସେତେବେଳେ ଅନେକେ ବିଘ୍ନ ପାଇବେ,ପୁଣି, ପରସ୍ପରକୁ ଧରାଇଦେବେ ଓ ପରସ୍ପରକୁ ଘୃଣା କରିବେ,

11ଆଉ ଅନେକ ଭଣ୍ଡ ଭାବବାଦୀ ଉଠି ଅନେକଙ୍କୁ ଭ୍ରାନ୍ତ କରିବେ,

12ପୁଣି, ଅଧର୍ମ ବୃଦ୍ଧି ପାଇବାରୁ ଅଧିକାଂଶ ଲୋକଙ୍କର ପ୍ରେମ ଶୀତଳ ହୋଇଯିବ ।

13ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ ।

14ଆଉ, ସମସ୍ତ ଜାତି ନିକଟରେ ସାକ୍ଷ୍ୟ ଦେବା ପାଇଁ ରାଜ୍ୟର ଏହି ସୁସମାଚାର ସମୁଦାୟ ପୃଥିବୀରେ ଘୋଷଣା କରାଯିବ, ତତ୍ପରେ ଯୁଗାନ୍ତ ହେବ ।

15ଏଣୁ ତୁମ୍ଭେମାନେ ଯେତେବେଳେ ଦାନିଏଲ ଭାବବାଦୀଙ୍କ ଦ୍ୱାରା ଉକ୍ତ ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ ପବିତ୍ର ସ୍ଥାନରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ),

16ସେତେବେଳେ ଯେଉଁମାନେ ଯିହୂଦା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଆନ୍ତୁ;

17ଯେ ଛାତ ଉପରେ ଥାଏ, ସେ ଆପଣା ଘର ଭିତରୁ ଜିନିଷପତ୍ର ନେଇଯିବା ପାଇଁ ଓହ୍ଲାଇ ନ ଆସୁ;

18ପୁଣି, ଯେ କ୍ଷେତରେ ଥାଏ, ସେ ଆପଣା ଚାଦର ନେଇଯିବା ପାଇଁ ଲେଉଟି ନ ଯାଉ ।

19ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର,

20କିନ୍ତୁ ତୁମ୍ଭମାନଙ୍କର ପଳାୟନ ଯେପରି ଶୀତକାଳରେ କିମ୍ବା ବିଶ୍ରାମବାରରେ ନ ଘଟେ, ଏଥିପାଇଁ ପ୍ରାର୍ଥନା କର ।

21କାରଣ ସେତେବେଳେ ଏପରି ମହାକ୍ଲେଶ ଘଟିବ ଯେ ଜଗତର ଆରମ୍ଭରୁ ଆଜି ପର୍ଯ୍ୟନ୍ତ ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ ।

22ଆଉ, ସେହି ସମୟ ଯେବେ ଊଣା କରାଯାଇ ନ ଥାଆନ୍ତା, ତେବେ କୌଣସି ମର୍ତ୍ତ୍ୟ ପରିତ୍ରାଣ ପାଆନ୍ତା ନାହିଁ, ମାତ୍ର ମନୋନୀତ ଲୋକଙ୍କ ସକାଶେ ସେହି ସମୟ ଊଣା କରାଯିବ ।

23ସେତେବେଳେ 'ଦେଖ, ଖ୍ରୀଷ୍ଟ ଏଠାରେ' କିବା 'ସେଠାରେ', କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କର ନାହିଁ ।

24କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ ।

25ଦେଖ, ମୁଁ ପୂର୍ବରୁ ତୁମ୍ଭମାନଙ୍କୁ ଜଣାଇଲି ।

26ଅତଏବ, 'ଦେଖ, ସେ ପ୍ରାନ୍ତରରେ ଅଛନ୍ତି', ଲୋକେ ଯଦି ତୁମ୍ଭମାନଙ୍କୁ ଏହି କଥା କହିବେ, ତେବେ ବାହାରିଯାଅ ନାହିଁ; 'ଦେଖ, ସେ ଗୁପ୍ତ କୋଠରୀରେ ଅଛନ୍ତି', ଯଦି ଏହା କହିବେ, ତେବେ ତାହା ବିଶ୍ୱାସ କର ନାହିଁ ।

27କାରଣ ବିଜୁଳି ଯେପରି ପୂର୍ବଦିଗରୁ ମାରି ପଶ୍ଚିମଦିଗ ପର୍ଯ୍ୟନ୍ତ ଦେଖାଯାଏ, ସେପରି ମନୁଷ୍ୟପୁତ୍ରଙ୍କର ଆଗମନ ହେବ ।

28ଯେଉଁଠାରେ ଶବ ପଡ଼ିଥାଏ, ସେହିଠାରେ ଶାଗୁଣାଗୁଡ଼ାକ ଏକାଠି ହେବେ ।

29ମାତ୍ର ସେହି ସମୟର କଷ୍ଟ ପରେ ହଠାତ୍ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ, ପୁଣି, ନକ୍ଷତ୍ରମାଳା ଆକାଶରୁ ପଡ଼ିବେ ଓ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବେ ।

30ସେତେବେଳେ ଆକାଶରେ ମନୁଷ୍ୟପୁତ୍ରଙ୍କର ଲକ୍ଷଣ ଦେଖାଯିବ, ପୁଣି, ସେ ସମୟରେ ପୃଥିବୀର ସମସ୍ତ ଗୋଷ୍ଠୀ ବିଳାପ କରିବେ ଏବଂ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ ।

31ଆଉ, ସେ ମହାତୂରୀଧ୍ୱନି ସହିତ ଆପଣା ଦୂତମାନଙ୍କୁ ପଠାଇବେ ଏବଂ ସେମାନେ ଆକାଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ତାହାଙ୍କର ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ ।

32ଡିମ୍ବିରି ଗଛରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା କୋମଳ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ;

33ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଦେଖିଲେ ସେ ଦ୍ୱାରର ସନ୍ନିକଟ, ଏହା ଜାଣ ।

34ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ ।

35ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ ।

36କିନ୍ତୁ ସେହି ଦିନ ଓ ଦଣ୍ଡ ବିଷୟ କେହି ଜାଣନ୍ତି ନାହିଁ, ସ୍ୱର୍ଗର ଦୂତମାନେ କିମ୍ବା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳ ମାତ୍ର ପିତା ଜାଣନ୍ତି ।

37ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କର ଆଗମନ ସମୟରେ ସେପ୍ରକାର ଘଟିବ ।

38କାରଣ ଜଳପ୍ଳାବନର ପୂର୍ବବର୍ତ୍ତୀ ସମୟରେ ଜାହାଜରେ ନୋହଙ୍କର ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେ ଯେପରି ଭୋଜନପାନ ଏବଂ ବିବାହ କରିବା ଓ ବିବାହ ଦେବାରେ ବ୍ୟସ୍ତ ଥିଲେ,

39ପୁଣି, ଜଳପ୍ଳାବନ ଆସି ସମସ୍ତଙ୍କୁ ଭସାଇ ନ ନେବା ପର୍ଯ୍ୟନ୍ତ ଯେପରି ଜାଣି ନ ଥିଲେ, ମନୁଷ୍ୟପୁତ୍ରଙ୍କର ଆଗମନ ମଧ୍ୟ ସେହି ପ୍ରକାର ହେବ ।

40ସେତେବେଳେ ଦୁଇ ଜଣ କ୍ଷେତରେ ଥିବେ, ଜଣକୁ ଗ୍ରହଣ କରାଯିବ ଓ ଅନ୍ୟ ଜଣକୁ ପରିତ୍ୟାଗ କରାଯିବ;

41ଦୁଇ ଜଣ ସ୍ତ୍ରୀ ଚକି ପେଷୁଥିବେ, ଜଣକୁ ଗ୍ରହଣ କରାଯିବ ଓ ଅନ୍ୟ ଜଣକୁ ପରିତ୍ୟାଗ କରାଯିବ ।

42ଅତଏବ, ଜାଗ୍ରତ ଥାଅ, କାରଣ ତୁମ୍ଭମାନଙ୍କ ପ୍ରଭୁ କେଉଁ ଦିନ ଆସିବେ, ତାହା ତୁମ୍ଭେମାନେ ଜାଣ ନାହିଁ ।

43କିନ୍ତୁ ଏହା ଜାଣିଥାଅ, କେଉଁ ପ୍ରହରରେ ଚୋର ଆସିବ, ଏହା ଗୃହକର୍ତ୍ତା ଯେବେ ଜାଣନ୍ତେ, ତାହାହେଲେ ସେ ଜାଗ୍ରତ ଥାଇ ଆପଣା ଗୃହରେ ପ୍ରବେଶ କରିବାକୁ ଦିଅନ୍ତେ ନାହିଁ ।

44ଏଣୁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ ।

45ତେବେ ପ୍ରଭୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ପ୍ରାପ୍ୟ ଦେବା ନିମନ୍ତେ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କଲେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ଦାସ କିଏ ?

46ପ୍ରଭୁ ଆସି ଆପଣାର ଯେଉଁ ଦାସକୁ ସେପ୍ରକାର କରୁଥିବା ଦେଖିବେ, ସେ ଧନ୍ୟ ।

47ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ତାହାକୁ ଆପଣାର ସର୍ବସ୍ୱ ଉପରେ ନିଯୁକ୍ତ କରିବେ ।

48କିନ୍ତୁ ଯଦି ସେହି ଦୁଷ୍ଟ ଦାସ ମୋର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି

49ଆପଣା ସହଦାସମାନଙ୍କୁ ପ୍ରହାର କରିବାକୁ ଲାଗେ, ଆଉ ମଦୁଆମାନଙ୍କ ସହିତ ଭୋଜନପାନ କରେ,

50ତାହାହେଲେ ଯେଉଁ ଦିନ ସେ ଅପେକ୍ଷା କରୁ ନ ଥିବ ଓ ଯେଉଁ ସମୟରେ ସେ ଜାଣି ନ ଥିବ, ସେହି ଦିନ ସେହି ସମୟରେ ତାହାର ପ୍ରଭୁ ଆସିବେ,

51ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି କପଟୀମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ ।


  Share Facebook  |  Share Twitter

 <<  Matthew 24 >> 


Bible2india.com
© 2010-2024
Help
Dual Panel

Laporan Masalah/Saran