Bible 2 India Mobile
[VER] : [ODIYA]     [PL]  [PB] 
 <<  Mark 8 >> 

1ସେହି ସମୟରେ ବହୁସଂଖ୍ୟକ ଲୋକ ପୁନର୍ବାର ଏକତ୍ର ହେଲେ, ଆଉ ସେମାନଙ୍କ ପାଖରେ ଖାଦ୍ୟଦ୍ରବ୍ୟ କିଛି ନ ଥିବାରୁ ଯୀଶୁ ଶିଷ୍ୟମାନଙ୍କୁ ନିକଟକୁ ଡାକି ସେମାନଙ୍କୁ କହିଲେ,

2ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋ' ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ ।

3ଯଦି ମୁଁ ସେମାନଙ୍କୁ ଅନାହାରରେ ଘରକୁ ପଠାଏ, ତାହାହେଲେ ବାଟରେ ସେମାନଙ୍କର ହଂସା ଉଡ଼ିଯିବ; ସେମାନଙ୍କ ମଧ୍ୟରୁ କେତେକ ତ ଦୂରରୁ ଆସିଅଛନ୍ତି ।

4ଶିଷ୍ୟମାନେ ତାହାଙ୍କୁ ଉତ୍ତର ଦେଲେ, ଏଠାରେ ଏହି ନିର୍ଜନ ସ୍ଥାନରେ କିଏ କେଉଁଠାରୁ ରୁଟି ଆଣି ଏମାନଙ୍କୁ ତୃପ୍ତ କରି ପାରିବ ?

5ଯୀଶୁ ସେମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି ? ସେମାନେ କହିଲେ, ସାତୋଟି ।

6ସେଥିରେ ଯୀଶୁ ଲୋକସମୂହକୁ ଭୂମିରେ ବସିବାକୁ ଆଜ୍ଞା ଦେଲେ; ଆଉ ସେ ସେହି ସାତୋଟି ରୁଟି ଘେନି ଧନ୍ୟବାଦ ଦେଇ ସେହି ସବୁ ଭାଙ୍ଗି ପରିବେଷଣ କରିବା ନିମନ୍ତେ ଆପଣା ଶିଷ୍ୟମାନଙ୍କୁ ଦେଲେ ଓ ସେମାନେ ଲୋକସମୂହକୁ ତାହା ପରିବେଷଣ କଲେ ।

7ପୁଣି, ସେମାନଙ୍କ ପାଖରେ ଅଳ୍ପ କେତୋଟି ସାନ ମାଛ ଥିଲା; ସେହିସବୁକୁ ମଧ୍ୟ ସେ ଆଶୀର୍ବାଦ କରି ପରିବେଷଣ କରିବା ନିମନ୍ତେ କହିଲେ ।

8ସେଥିରେ ସେମାନେ ଭୋଜନ କରି ତୃପ୍ତ ହେଲେ ଓ ସାତ ବେତା ବଳକା ଭଙ୍ଗା ରୁଟି ଉଠାଇଲେ ।

9ସେମାନେ ପ୍ରାୟ ଚାରି ହଜାର ଲୋକ ଥିଲେ ।

10ତାହା ପରେ ସେ ସେମାନଙ୍କୁ ବିଦାୟ ଦେଲେ ଓ ସେହିକ୍ଷଣି ଆପଣା ଶିଷ୍ୟମାନଙ୍କ ସହିତ ନୌକାରେ ଚଢ଼ି ଦଲ୍‌ମନୂଥା ଅଞ୍ଚଳକୁ ଆସିଲେ ।

11ପରେ ଫାରୂଶୀମାନେ ବାହାରି ଆସି ତାହାଙ୍କ ସାଙ୍ଗରେ ବାଦାନୁବାଦ କରିବାକୁ ଲାଗିଲେ ଓ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ଆକାଶରୁ ଗୋଟିଏ ଚିହ୍ନ ମାଗିଲେ ।

12ସେଥିରେ ଯୀଶୁ ଆତ୍ମାରେ ବ୍ୟଥିତ ହୋଇ ଦୀର୍ଘ ନିଶ୍ୱାସ ଛାଡ଼ି କହିଲେ, ବର୍ତ୍ତମାନ ପୁରୁଷ କାହିଁଁକି ଚିହ୍ନ ଅନ୍ୱେଷଣ କରୁଅଛି ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବର୍ତ୍ତମାନ ପୁରୁଷକୁ କୌଣସି ଚିହ୍ନ ଦିଆଯିବ ନାହିଁଁ ।

13ଆଉ, ସେ ସେମାନଙ୍କୁ ଛାଡ଼ି ପୁନର୍ବାର ନୌକାରେ ଚଢ଼ି ଆରପାରିକି ବାହାରିଗଲେ ।

14ସେତେବେଳେ ଶିଷ୍ୟମାନେ ରୁଟି ନେବାକୁ ପାସୋରିଗଲେ; ନୌକାରେ ସେମାନଙ୍କ ପାଖରେ କେବଳ ଗୋଟିଏ ମାତ୍ର ରୁଟି ଥିଲା ।

15ପରେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, ସତର୍କ ହୁଅ, ଫାରୂଶୀମାନଙ୍କ ଓ ହେରଦଙ୍କ ଖମୀରଠାରୁ ସାବଧାନ ହୋଇଥାଅ ।

16ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭମାନଙ୍କ ପାଖରେ ରୁଟି ନାହିଁଁ ବୋଲି ସେ ଏହା କହୁଅଛନ୍ତି ।

17ସେ ତାହା ଜାଣି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ପାଖରେ ରୁଟି ନାହିଁଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ ? ତୁମ୍ଭେମାନେ କ'ଣ ଏପର୍ଯ୍ୟନ୍ତ ଜାଣୁ ନାହଁ କି ବୁଝୁ ନାହଁ ?

18ତୁମ୍ଭମାନଙ୍କ ହୃଦୟ କ'ଣ ଜଡ଼ ହୋଇ ରହିଅଛି ? ଚକ୍ଷୁ ଥାଉ ଥାଉ କି ଦେଖୁ ନାହଁ ? ପୁଣି, କର୍ଣ୍ଣ ଥାଉ ଥାଉ କି ଶୁଣୁ ନାହଁ ?

19ସେହି ପାଞ୍ଚ ହଜାର ଲୋକଙ୍କ ମଧ୍ୟରେ ମୁଁ ଯେତେବେଳେ ପାଞ୍ଚୋଟି ରୁଟି ଭାଙ୍ଗିଥିଲି, ସେତେବେଳେ ତୁମ୍ଭେମାନେ ପୂରା କେତେ ଟୋକେଇ ଭଙ୍ଗା ଖଣ୍ଡ ଉଠାଇନେଇଥିଲ, ତାହା କି ତୁମ୍ଭମାନଙ୍କର ସ୍ମରଣ ନାହିଁ ? ସେମାନେ ତାହାଙ୍କୁ କହିଲେ, ବାର ଟୋକାଇ ।

20ଆଉ, ସେହି ଚାରି ହଜାର ଲୋକଙ୍କ ମଧ୍ୟରେ ମୁଁ ଯେତେବେଳେ ସାତୋଟି ରୁଟି ଭାଙ୍ଗିଥିଲି, ସେତେବେଳେ ତୁମ୍ଭେମାନେ ପୂରା କେତେ ବେତାଗୁଡିକ ଭଙ୍ଗା ଖଣ୍ଡ ଉଠାଇନେଇଥିଲ ? ସେମାନେ କହିଲେ, ସାତ ଟୋକେଇ ।

21ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ କ'ଣ ଏପର୍ଯ୍ୟନ୍ତ ବୁଝୁ ନାହଁ ?

22ପରେ ସେମାନେ ବେଥ୍‌ସାଇଦାକୁ ଆସିଲେ । ଆଉ ଲୋକେ ଜଣେ ଅନ୍ଧକୁ ତାହାଙ୍କ ନିକଟକୁ ଆଣି ତାହାକୁ ଛୁଇଁବା ପାଇଁ ତାହାଙ୍କୁ ବିନତି କଲେ ।

23ତେଣୁ ସେ ଅନ୍ଧଟିର ହାତ ଧରି ତାହାକୁ ଗାଁ ବାହାରକୁ ଘେନିଗଲେ, ପୁଣି, ତାହାର ଅାଖିରେ ଛେପ ପକାଇ ଓ ତାହା ଉପରେ ହାତ ଥୋଇ ତାହାକୁ ପଚାରିଲେ, ତୁମ୍ଭେ କି କିଛି ଦେଖୁଅଛ ?

24ସେ ଚାହିଁଁ କହିଲା, ମୁଁ ମନୁଷ୍ୟମାନଙ୍କୁ ଦେଖୁଅଛି, କାରଣ ମୁଁ ଗଛ ପରି କ'ଣ ଚାଲୁଥିବା ଦେଖୁଅଛି ।

25ତାହା ପରେ ଯୀଶୁ ପୁଣି, ତାହାର ଆଖିରେ ହାତ ଦେଲେ; ସେଥିରେ ସେ ସ୍ପଷ୍ଟରୂପେ ଦେଖିଲା ଓ ସୁସ୍ଥ ହୋଇ ଏକଦୃଷ୍ଟିରେ ସମସ୍ତ ବିଷୟକୁ ଚାହିଁଁବାକୁ ଲାଗିଲା ।

26ପରେ ଯୀଶୁ ତାହାକୁ ତାହାର ଘରକୁ ପଠାଇଦେଇ କହିଲେ, ଏ ଗାଁ ଭିତରକୁ ସୁଦ୍ଧା ଯାଅନାହିଁଁ ।

27ଏଥିଉତ୍ତାରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କାଇସରିୟା ଫିଲିପ୍ପୀ ଅଞ୍ଚଳର ଗ୍ରାମମାନଙ୍କୁ ପ୍ରସ୍ଥାନ କଲେ, ଆଉ ପଥ ମଧ୍ୟରେ ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, ମୁଁ କିଏ ବୋଲି ଲୋକେ କଅଣ କହନ୍ତି ?

28ଏଥିରେ ସେମାନେ ତାହାଙ୍କୁ କହିଲେ, ବାପ୍ତିଜକ ଯୋହନ, ଆଉ କେହି କେହି ଏଲିୟ, କିନ୍ତୁ କେହି କେହି କହନ୍ତି, ଭାବବାଦୀମାନଙ୍କ ମଧ୍ୟରୁ ଜଣେ ।

29ସେ ସେମାନଙ୍କୁ ପଚାରିଲେ, କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କ'ଣ କହୁଅଛ ? ପିତର ତାହାଙ୍କୁ ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ ।

30ସେଥିରେ ଯୀଶୁ ସେମାନଙ୍କୁ ତାହାଙ୍କ ବିଷୟରେ କାହାରିକୁ କିଛି ନ କହିବାକୁ ଦୃଢ଼ରୂପେ ଆଜ୍ଞା ଦେଲେ ।

31ଆଉ, ଯୀଶୁ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ଯେ, ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତିନି ଦିନ ପରେ ପୁନରୁତ୍ଥାନ କରିବାକୁ ହେବ ।

32ଏହି କଥା ସେ ସ୍ପଷ୍ଟରୂପେ କହିଲେ। ସେଥିରେ ପିତର ତାହାଙ୍କୁ ଗୋଟିଏ ପାଖକୁ ଘେନିଯାଇ ଅନୁଯୋଗ କରିବାକୁ ଲାଗିଲେ ।

33କିନ୍ତୁ ସେ ବୁଲିପଡ଼ି ଆପଣା ଶିଷ୍ୟମାନଙ୍କୁ ଦେଖି ପିତରଙ୍କୁ ଅନୁଯୋଗ କରି କହିଲେ, ମୋ ଆଗରୁ ଦୂର ହୁଅ, ଶୟତାନ, କାରଣ ତୁମ୍ଭେ ଈଶ୍ୱରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ ।

34ତତ୍ପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଲୋକସମୂହକୁ ନିକଟକୁ ଡାକି କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ ।

35କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋହର ଓ ସୁସମାଚାର ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ ।

36ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ନିଜ ଜୀବନ ହରାଏ, ତେବେ ତାହାର କି ଲାଭ ?

37ପୁଣି, ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେଇ ପାରେ ?

38ଯେଣୁ ଯେ କେହି ଏହି କାଳର ବ୍ୟଭିଚାରୀ ଓ ପାପିଷ୍ଠ ଲୋକମାନଙ୍କ ମଧ୍ୟରେ ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜାବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ଦୂତମାନଙ୍କ ସହିତ ଆପଣା ପିତାଙ୍କ ମହିମାରେ ଆଗମନ କରିବେ, ସେତେବେଳେ ସେ ମଧ୍ୟ ତାହା ବିଷୟରେ ଲଜ୍ଜାବୋଧ କରିବେ ।


  Share Facebook  |  Share Twitter

 <<  Mark 8 >> 


Bible2india.com
© 2010-2024
Help
Dual Panel

Laporan Masalah/Saran