Bible 2 India Mobile
[VER] : [ODIYA]     [PL]  [PB] 
 <<  Psalms 71 >> 

1ହେ ସଦାପ୍ରଭୁ, ମୁଁ ତୁମ୍ଭର ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ ।

2ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କରି ରକ୍ଷା କର; ମୋ' ପ୍ରତି ଆପଣା କର୍ଣ୍ଣ ଡେରି ମୋତେ ତ୍ରାଣ କର ।

3ଯେଉଁଠାକୁ ମୁଁ ନିତ୍ୟ ଯାଇପାରେ, ତୁମ୍ଭେ ମୋ' ପ୍ରତି ସେରୂପ ବସତିର ଶୈଳ ସ୍ୱରୂପ ହୁଅ; ତୁମ୍ଭେ ମୋତେ ପରିତ୍ରାଣ କରିବା ପାଇଁ ଆଜ୍ଞା ଦେଇଅଛ; କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ ।

4ହେ ମୋହର ପରମେଶ୍ୱର, ଦୁଷ୍ଟଲୋକ ହସ୍ତରୁ, ଅନ୍ୟାୟକାରୀ ଓ ନିର୍ଦ୍ଦୟ ଲୋକ ହସ୍ତରୁ ମୋତେ ରକ୍ଷା କର ।

5କାରଣ ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ହିଁ ମୋହର ଭରସା; ମୋ' ବାଲ୍ୟକାଳରୁ ତୁମ୍ଭେ ମୋହର ବିଶ୍ୱାସଭୂମି ।

6ଗର୍ଭରୁ ତୁମ୍ଭ ଉପରେ ମୋହର ଭାର ଅଛି; ମାତାର ଉଦରରୁ ତୁମ୍ଭେ ହିଁ ମୋତେ ନେଇଅଛ; ତୁମ୍ଭ ବିଷୟରେ ନିତ୍ୟ ମୋହର ପ୍ରଶଂସା ହେବ ।

7ମୁଁ ଅନେକଙ୍କ ପ୍ରତି ଆଶ୍ଚର୍ଯ୍ୟ ବିଷୟ ସ୍ୱରୂପ; ମାତ୍ର ତୁମ୍ଭେ ମୋହର ଦୃଢ଼ ଆଶ୍ରୟ ।

8ମୋହର ମୁଖ ତୁମ୍ଭ ପ୍ରଶଂସାରେ ଓ ସାରାଦିନ ତୁମ୍ଭ ଗୌରବ ବର୍ଣ୍ଣନାରେ ପରିପୂର୍ଣ୍ଣ ହେବ ।

9ବୃଦ୍ଧାବସ୍ଥାରେ ମୋତେ ପରିତ୍ୟାଗ କର ନାହିଁ; ମୋହର ବଳ କ୍ଷୀଣ ହେବା ସମୟରେ ମୋତେ ଛାଡ଼ ନାହିଁ ।

10କାରଣ ମୋହର ଶତ୍ରୁଗଣ ମୋ' ବିଷୟରେ କଥା କହନ୍ତି ଓ ମୋ' ପ୍ରାଣ ପାଇଁ ଜଗିବା ଲୋକମାନେ ଏକତ୍ର ମନ୍ତ୍ରଣା କରି କହନ୍ତି ଯେ,

11"ପରମେଶ୍ୱର ତାହାକୁ ପରିତ୍ୟାଗ କରିଅଛନ୍ତି, ପଛେ ପଛେ ଗୋଡ଼ାଇ ତାହାକୁ ଧର; କାରଣ ଉଦ୍ଧାର କରିବାକୁ କେହି ନାହିଁ ।"

12ହେ ପରମେଶ୍ୱର, ମୋ'ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ପରମେଶ୍ୱର, ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ ।

13ମୋ' ପ୍ରାଣର ବିପକ୍ଷମାନେ ଲଜ୍ଜିତ ଓ ଉଚ୍ଛିନ୍ନ ହେଉନ୍ତୁ; ଯେଉଁମାନେ ମୋହର କ୍ଷତି ଚେଷ୍ଟା କରନ୍ତି, ସେମାନେ ନିନ୍ଦା ଓ ଅପମାନରେ ଆଚ୍ଛନ୍ନ ହେଉନ୍ତୁ ।

14ମାତ୍ର ମୁଁ ନିରନ୍ତର ଭରସା କରିବି, ପୁଣି, ଆହୁରି ଆହୁରି ତୁମ୍ଭର ପ୍ରଶଂସା କରିବି ।

15ମୋହର ମୁଖ ସାରାଦିନ ତୁମ୍ଭର ଧର୍ମ ଓ ତୁମ୍ଭର ପରିତ୍ରାଣ ବର୍ଣ୍ଣନା କରିବ; କାରଣ ମୁଁ ତହିଁର ସଂଖ୍ୟା ଜାଣେ ନାହିଁ ।

16ମୁଁ ପ୍ରଭୁ, ସଦାପ୍ରଭୁଙ୍କ ପରାକ୍ରମର ସକଳ କ୍ରିୟା ସହିତ ଉପସ୍ଥିତ ହେବି । ମୁଁ ତୁମ୍ଭର, କେବଳ ତୁମ୍ଭର ଧର୍ମ ବିଷୟ ବର୍ଣ୍ଣନା କରିବି ।

17ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳଠାରୁ ଶିକ୍ଷା ଦେଇ ଆସୁଅଛ; ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସବୁ ପ୍ରଚାର କରିଅଛି ।

18ହେ ପରମେଶ୍ୱର, ମୁଁ ଆସନ୍ତା ପୁରୁଷ ନିକଟରେ ତୁମ୍ଭର ବାହୁବଳ, ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ, ବୃଦ୍ଧ ଓ ପକ୍ୱକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ ।

19ହେ ପରମେଶ୍ୱର, ମହତ କାର୍ଯ୍ୟମାନ ସାଧନ କରିଅଛ ଯେ ତୁମ୍ଭେ, ତୁମ୍ଭର ଧର୍ମ ଅତି ଉଚ୍ଚ; ହେ ପରମେଶ୍ୱର, ତୁମ୍ଭ ତୁଲ୍ୟ କିଏ ଅଛି ?

20ଆମ୍ଭମାନଙ୍କୁ ଅନେକ ଓ ଦାରୁଣ କ୍ଳେଶ ଦେଖାଇଅଛ ଯେ ତୁମ୍ଭେ, ତୁମ୍ଭେ ଆମ୍ଭମାନଙ୍କୁ ପୁନର୍ବାର ସଜୀବ କରିବ ଓ ପୃଥିବୀର ଗଭୀର ସ୍ଥାନରୁ ପୁନର୍ବାର ଉଠାଇ ଆଣିବ ।

21ତୁମ୍ଭେ ମୋହର ମହତ୍ତ୍ୱ ବଢ଼ାଅ ଓ ଫେରି ମୋତେ ସାନ୍ତ୍ୱନା ଦିଅ ।

22ହେ ମୋହର ପରମେଶ୍ୱର, ମୁଁ ନେବଲ ଯନ୍ତ୍ରରେ, ମଧ୍ୟ ତୁମ୍ଭର, ଅର୍ଥାତ୍‍, ତୁମ୍ଭ ସତ୍ୟତାର ପ୍ରଶଂସା କରିବି; ହେ ଇସ୍ରାଏଲର ଧର୍ମ ସ୍ୱରୂପ, ମୁଁ ବୀଣା ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି ।

23ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ବେଳେ ମୋହର ଓଷ୍ଠାଧର ଓ ତୁମ୍ଭ ଦ୍ୱାରା ମୁକ୍ତ ମୋହର ପ୍ରାଣ ଅତିଶୟ ଆହ୍ଲାଦ କରିବ ।

24ମୋହର ଜିହ୍ୱା ମଧ୍ୟ ସାରାଦିନ ତୁମ୍ଭ ଧର୍ମ ବିଷୟ କହିବ; କାରଣ ମୋହର ଅନିଷ୍ଟ ଚେଷ୍ଟାକାରୀମାନେ ଲଜ୍ଜିତ ଓ ହତାଶ ହୋଇଅଛନ୍ତି ।


  Share Facebook  |  Share Twitter

 <<  Psalms 71 >> 


Bible2india.com
© 2010-2024
Help
Dual Panel

Laporan Masalah/Saran