Bible 2 India Mobile
[VER] : [ODIYA]     [PL]  [PB] 
 <<  Jeremiah 52 >> 

1ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ଥିଲା ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲା; ତାହାର ମାତାର ନାମ ହମୁଟଲ୍‍, ସେ ଲିବ୍‍ନା ନିବାସୀ ଯିରିମିୟଙ୍କ କନ୍ୟା ଥିଲା ।

2ଆଉ, ସେ ଯିହୋୟାକୀମ୍‍ର କୃତ ସମସ୍ତ କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲା ।

3କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦାରେ ଏପରି ଘଟଣା ଘଟିଲା । ଆଉ, ସିଦିକୀୟ ବାବିଲ ରାଜାର ବିଦ୍ରୋହୀ ହେଲା।

4ଏଥିଉତ୍ତାରେ ତାହାର ଅଧିକାରର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ, ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ ।

5ତହୁଁ ସିଦିକୀୟ ରାଜାର ଅଧିକାରର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା ।

6ଚତୁର୍ଥ ମାସରେ, ସେହି ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶୀୟ ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟ ମିଳିଲା ନାହିଁ ।

7ତେବେ, ନଗରରେ ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକ ରାତ୍ରି ଭିତରେ ରାଜାର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍‍ଦୀୟମାନେ ନଗରର ବିରୁଦ୍ଧରେ ଚତୁର୍ଦ୍ଦିଗରେ ଥିଲେ; ପୁଣି, ଲୋକମାନେ ଆରବା ପଥ ଦେଇ ଚାଲିଗଲେ ।

8ମାତ୍ର କଲ୍‍ଦୀୟମାନଙ୍କ ସୈନ୍ୟ ରାଜାର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟକୁ ଧରିଲେ; ତହିଁରେ ତାହାର ସକଳ ସୈନ୍ୟ ତାହା ନିକଟରୁ ଛିନ୍ନଭିନ୍ନ ହୋଇଗଲେ ।

9ତହୁଁ ସେମାନେ ରାଜାକୁ ଧରି ହମାତ୍‍ ଦେଶସ୍ଥ ରିବ୍‍ଲାକୁ ବାବିଲ ରାଜା ନିକଟକୁ ନେଇଗଲେ; ତହିଁରେ ସେ ତାହା ପ୍ରତି ଦଣ୍ଡାଜ୍ଞା କଲା ।

10ଆଉ, ବାବିଲର ରାଜା ସିଦିକୀୟର ପୁତ୍ରମାନଙ୍କୁ ତାହାର ସାକ୍ଷାତରେ ବଧ କଲା; ସେ ଯିହୁଦାର ଅଧିପତି ସମସ୍ତଙ୍କୁ ହିଁ ରିବ୍‍ଲାରେ ବଧ କଲା ।

11ଆଉ, ସେ ସିଦିକୀୟର ଚକ୍ଷୁ ଉପାଡ଼ି ପକାଇଲା; ପୁଣି, ବାବିଲର ରାଜା ତାହାକୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲା ଓ ତାହାର ମୃତ୍ୟୁ ପର୍ଯ୍ୟନ୍ତ ତାହାକୁ କାରାଗାରରେ ରଖିଲା ।

12ପଞ୍ଚମ ମାସରେ, ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍‍ନିତ୍ସର ରାଜାର ଅଧିକାରର ଊଣେଇଶ ବର୍ଷରେ, ବାବିଲ ରାଜାର ସମ୍ମୁଖରେ ଦଣ୍ଡାୟମାନ ନବୂଷରଦନ୍‍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା ।

13ପୁଣି, ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ପୁଣି, ସେ ଯିରୂଶାଲମସ୍ଥ ସକଳ ଗୃହ, ଅର୍ଥାତ୍‍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା ।

14ଆଉ, ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍‍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀର ଭଗ୍ନ କଲେ ।

15ସେତେବେଳେ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଲୋକମାନଙ୍କ ମଧ୍ୟରୁ ନିତାନ୍ତ ଦରିଦ୍ରମାନଙ୍କୁ ଓ ନଗରର ଅବଶିଷ୍ଟ ଲୋକମାନଙ୍କୁ, ଆଉ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା ।

16ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଦେଶର ନିତାନ୍ତ ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମଚାରୀ ଓ କୃଷକ ହେବା ପାଇଁ ଛାଡ଼ିଗଲା ।

17ପୁଣି, କଲ୍‍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳ ସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକି ସବୁ ଓ ପିତ୍ତଳମୟ ସମୁଦ୍ର ରୂପ ପାତ୍ର ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳସବୁ ବାବିଲକୁ ନେଇଗଲେ।

18ଆହୁରି, ସେମାନେ ହାଣ୍ଡି ଓ କରଚୁଲି, କତୁରୀ, କୁଣ୍ଡ, ଚାମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ ।

19ପ୍ରହରୀବର୍ଗର ସେନାପତି ତାଟିଆ, ଅଙ୍ଗାରଧାନୀ, କୁଣ୍ଡ, ହାଣ୍ଡି, ଦୀପବୃକ୍ଷ, ଚାମସ ଓ ପାତ୍ର ସବୁ, ଯାହା ସୁନାର ଥିଲା, ତାହା ସୁନା କରି ଓ ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା ।

20ଶଲୋମନ ରାଜା ସଦାପ୍ରଭୁଙ୍କ ଗୃହ ନିମନ୍ତେ ଯେଉଁ ଦୁଇ ସ୍ତମ୍ଭ, ଏକ ସମୁଦ୍ର ରୂପ ପାତ୍ର ଓ ତହିଁର ତଳସ୍ଥ ଦ୍ୱାଦଶ ପିତ୍ତଳମୟ ବୃଷରୂପ ବୈଠିକି ନିର୍ମାଣ କରିଥିଲେ, ସେହିସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା ।

21ପୁଣି, ସେହି ଦୁଇ ସ୍ତମ୍ଭ, ପ୍ରତ୍ୟେକର ଉଚ୍ଚ ଅଠରହାତ ଓ ପରିଧି ବାରହାତ ଓ ତହିଁର ସ୍ଥୂଳତା ଚାରି ଅଙ୍ଗୁଳି ଓ ତାହା ଫମ୍ପା ଥିଲା ।

22ଆଉ, ତହିଁର ଉପରେ ପିତ୍ତଳର ମୁଣ୍ଡାଳି ଥିଲା, ସେହି ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଓ ମୁଣ୍ଡାଳିର ଉପରେ ଚତୁର୍ଦ୍ଦିଗରେ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା, ସେସବୁ ପିତ୍ତଳମୟ ଥିଲା; ଆଉ, ଦ୍ୱିତୀୟ ସ୍ତମ୍ଭର ମଧ୍ୟ ଏହି ପ୍ରକାର ଆକାର ଓ ଡାଳିମ୍ବ ଥିଲା ।

23ପାର୍ଶ୍ୱରେ ଛୟାନବେ ଡାଳିମ୍ବ ଥିଲା; ଜାଲିକର୍ମର ଉପରେ ଚାରିଆଡ଼େ ଏକ ଶତ ଡାଳିମ୍ବାକୃତି ଥିଲା ।

24ପୁଣି, ପ୍ରହରୀବର୍ଗର ସେନାପତି ପ୍ରଧାନ ଯାଜକ ସରାୟକୁ ଓ ଦ୍ୱିତୀୟ ଯାଜକ ସଫନୀୟକୁ, ଆଉ ତିନି ଜଣ ଦ୍ୱାରପାଳକୁ ଧରିଲା ।

25ଆଉ, ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକ ଜଣ ଅଧ୍ୟକ୍ଷକୁ ଓ ନଗରରେ ପ୍ରାପ୍ତ ରାଜମୁଖ ଦର୍ଶନକାରୀମାନଙ୍କ ମଧ୍ୟରୁ ସାତଜଣକୁ ଓ ଦେଶର ଲୋକ ଗଣନାକାରୀ ସେନାପତିର ଲେଖକଙ୍କୁ ଓ ନଗର ମଧ୍ୟରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକକୁ ଧରିଲା ।

26ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ସେମାନଙ୍କୁ ଧରି ରିବ୍‍ଲାକୁ ବାବିଲ ରାଜା ନିକଟକୁ ନେଇଗଲା ।

27ତହିଁରେ ବାବିଲର ରାଜା ହମାତ୍‍ ଦେଶସ୍ଥ ରିବ୍‍ଲାରେ ସେମାନଙ୍କୁ ଆଘାତ କରି ବଧ କଲା । ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହେଲା ।

28ନବୂଖଦ୍‍ନିତ୍ସର ଯେଉଁମାନଙ୍କୁ ବନ୍ଦୀ କରି ନେଇଗଲା, ସେହି ଲୋକମାନଙ୍କର ସଂଖ୍ୟା ଏହି; ସପ୍ତମ ବର୍ଷରେ ତିନି ସହସ୍ର ତେଇଶ ଜଣ ଯିହୁଦୀ ଲୋକ;

29ନବୂଖଦ୍‍ନିତ୍ସରର ଅଧିକାରର ଅଠର ବର୍ଷରେ ସେ ଯିରୂଶାଲମରୁ ଆଠ ଶହ ବତିଶ ଲୋକ ବନ୍ଦୀ କରି ନେଇଗଲା;

30ନବୂଖଦ୍‍ନିତ୍ସରର ଅଧିକାରର ତେଇଶ ବର୍ଷରେ ନବୂଷରଦନ୍‍ ପ୍ରହରୀବର୍ଗର ସେନାପତି, ସାତ ଶହ ପଇଁଚାଳିଶ ଜଣ ଯିହୁଦୀଙ୍କୁ ବନ୍ଦୀ କରି ନେଇଗଲା; ସର୍ବସୁଦ୍ଧା ଚାରି ସହସ୍ର ଛ' ଶତ ଲୋକ ଥିଲେ ।

31ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍‍ର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ସେହି ମାସର ପଚିଶ ଦିନରେ ବାବିଲର ରାଜା ଇବିଲ୍‍-ମରୋ-ଦକ୍‍ ଆପଣା ଅଧିକାରର ପ୍ରଥମ ବର୍ଷରେ, ଯିହୁଦାର ରାଜା ଯିହୋୟାଖୀନ୍‍କୁ କାରାଗାରରୁ ବାହାର କରି ତାହାର ମସ୍ତକ ଉନ୍ନତ କଲା;

32ଆଉ, ସେ ତାହାକୁ ପ୍ରୀତିବାକ୍ୟ କହିଲା ଓ ତାହା ସଙ୍ଗେ ବାବିଲରେ ଥିବା ରାଜାମାନଙ୍କର ଆସନଠାରୁ ତାହାର ଆସନ ଉଚ୍ଚରେ ସ୍ଥାପନ କଲା,

33ଆଉ ସେ ଆପଣା କାରାଗାରର ବସ୍ତ୍ର ପରିବର୍ତ୍ତନ କରି ଆପଣାର ଯାବଜ୍ଜୀବନ ନିତ୍ୟ ନିତ୍ୟ ତାହା ସମ୍ମୁଖରେ ଭୋଜନ କଲା ।

34ପୁଣି, ତାହାର ଦିନାତିପାତ ନିମନ୍ତେ ବାବିଲର ରାଜାଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ମରଣଦିନ ପର୍ଯ୍ୟନ୍ତ, ଆପଣା ଜୀବନର ସମସ୍ତକାଳ ପ୍ରତିଦିନ ଏକ ନିରୂପିତ ଅଂଶ ପାଇଲା ।


  Share Facebook  |  Share Twitter

 <<  Jeremiah 52 >> 


Bible2india.com
© 2010-2024
Help
Dual Panel

Laporan Masalah/Saran