Bible 2 India Mobile
[VER] : [ODIYA]     [PL]  [PB] 
 <<  Joel 3 >> 

1କାରଣ ଦେଖ, ସେହି ଦିନରେ ଓ ସେହି ସମୟରେ, ଯେତେବେଳେ ଆମ୍ଭେ ଯିହୁଦା ଓ ଯିରୂଶାଲମର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା,

2ସେତେବେଳେ ଆମ୍ଭେ ଯାବତୀୟ ଗୋଷ୍ଠୀଙ୍କୁ ସଂଗ୍ରହ କରି ସେମାନଙ୍କୁ ଯିହୋଶାଫଟ (ସଦାପ୍ରଭୁଙ୍କ ବିଚାର) ଉପତ୍ୟକାକୁ ଓହ୍ଲାଇ ଆଣିବା; ଆଉ, ସେମାନଙ୍କ ସଙ୍ଗେ ଆମ୍ଭ ଲୋକମାନଙ୍କର ଓ ଆମ୍ଭ ଅଧିକାର ଇସ୍ରାଏଲ ସପକ୍ଷରେ ବାଦାନୁବାଦ କରିବା, କାରଣ ସେମାନେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରି ଆମ୍ଭର ଦେଶ ବିଭାଗ କରିଅଛନ୍ତି ।

3ପୁଣି, ସେମାନେ ଆମ୍ଭ ଲୋକମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ଏକ ବେଶ୍ୟା ପାଇଁ ଏକ ବାଳକ ଦେଇଅଛନ୍ତି ଓ ପାନ କରିବା ନିମନ୍ତେ ଦ୍ରାକ୍ଷାରସ ପାଇଁ ବାଳିକା ବିକ୍ରୟ କରିଅଛନ୍ତି ।

4ଆହୁରି, ହେ ସୋର, ସୀଦୋନ ଓ ପଲେଷ୍ଟୀୟାର ସକଳ ଅଞ୍ଚଳ, ତୁମ୍ଭେମାନେ ଆମ୍ଭ ପ୍ରତି କଅଣ କରିବ ? ତୁମ୍ଭେମାନେ କି ଆମ୍ଭକୁ ପ୍ରତିଫଳ ଦେବ ? ଓ ତୁମ୍ଭେମାନେ ଆମ୍ଭକୁ ପ୍ରତିଫଳ ଦେଲେ, ଆମ୍ଭେ ଅବିଳମ୍ବରେ ଓ ଅତି ଶୀଘ୍ରରେ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ନିଜ ମସ୍ତକରେ ବର୍ତ୍ତାଇବା ।

5କାରଣ ତୁମ୍ଭେମାନେ ଆମ୍ଭର ରୂପା ଓ ସୁନା ହରଣ କରିଅଛ, ଆଉ ଆମ୍ଭର ଉତ୍ତମ ମନୋହର ପଦାର୍ଥମାନ ଆପଣାମାନଙ୍କର ମନ୍ଦିରକୁ ବହି ନେଇ ଯାଇଅଛ;

6ଆହୁରି ଯିହୁଦାର ସନ୍ତାନଗଣକୁ ଓ ଯିରୂଶାଲମର ସନ୍ତାନଗଣକୁ ସେମାନଙ୍କ ସୀମାରୁ ଦୂର କରିବା ନିମନ୍ତେ ଗ୍ରୀସ୍‍ର ସନ୍ତାନଗଣ ନିକଟରେ ସେମାନଙ୍କୁ ବିକ୍ରୟ କରିଅଛ ।

7ଦେଖ, ତୁମ୍ଭେମାନେ ଯେଉଁ ସ୍ଥାନରେ ସେମାନଙ୍କୁ ବିକ୍ରୟ କରିଅଛ, ଆମ୍ଭେ ସେମାନଙ୍କର ପ୍ରବୃତ୍ତି ଜନ୍ମାଇ ସେହି ସ୍ଥାନରୁ ବାହାର କରିବା ଓ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ମସ୍ତକରେ ବର୍ତ୍ତାଇବା;

8ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୁତ୍ରଗଣ ଓ ତୁମ୍ଭମାନଙ୍କର କନ୍ୟାଗଣଙ୍କୁ ଯିହୁଦାର ସନ୍ତାନଗଣର ହସ୍ତରେ ବିକ୍ରୟ କରିବା, ତହିଁରେ ସେମାନେ ସେମାନଙ୍କୁ ଦୂର ଗୋଷ୍ଠୀୟ ଶିବାୟୀୟ ଲୋକମାନଙ୍କ ନିକଟରେ ବିକ୍ରୟ କରିବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି ।

9ତୁମ୍ଭେମାନେ ଗୋଷ୍ଠୀବର୍ଗ ମଧ୍ୟରେ ଏହି କଥା ପ୍ରଚାର କର; ଯୁଦ୍ଧ ଆୟୋଜନ କର; ବୀରମାନଙ୍କର ପ୍ରବୃତ୍ତି ଜନ୍ମାଅ; ଯୋଦ୍ଧା ସମସ୍ତେ ନିକଟକୁ ଆସି ଉପସ୍ଥିତ ହେଉନ୍ତୁ ।

10ତୁମ୍ଭେମାନେ ଆପଣା ଆପଣା ଲଙ୍ଗଳର ଫାଳ ଭାଙ୍ଗି ଖଡ୍ଗ ଗଢ଼ାଅ ଓ ଆପଣା ଆପଣା ଦା ଭାଙ୍ଗି ବର୍ଚ୍ଛା ଗଢ଼: ଦୁର୍ବଳ ଲୋକ କହୁ, “ମୁଁ ବଳବାନ୍ ।”

11ହେ ଚତୁର୍ଦ୍ଦିଗସ୍ଥ ଗୋଷ୍ଠୀସକଳ, ତୁମ୍ଭେମାନେ ଚଞ୍ଚଳ ହୋଇ ଆସ ଓ ଆପଣାମାନଙ୍କୁ ଏକତ୍ର କର; ହେ ସଦାପ୍ରଭୁ, ସେହି ସ୍ଥାନକୁ ତୁମ୍ଭେ ଆପଣା ବୀରଗଣକୁ ଓହ୍ଳାଇ ଆଣ ।

12ଗୋଷ୍ଠୀବର୍ଗ ଉଦ୍‍ଯୋଗୀ ହୋଇ ଉଠନ୍ତୁ ଓ ଯିହୋଶାଫଟର ଉପତ୍ୟକାକୁ ଆସନ୍ତୁ; କାରଣ ସେସ୍ଥାନରେ ଆମ୍ଭେ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀର ବିଚାର କରିବା ପାଇଁ ବସିବା ।

13ତୁମ୍ଭେମାନେ ଦା ଲଗାଅ କାରଣ ଶସ୍ୟ ପାଚିଅଛି; ତୁମ୍ଭେମାନେ ଆସି ଦଳନ କର; କାରଣ ଦ୍ରାକ୍ଷାଯନ୍ତ୍ର ପୂର୍ଣ୍ଣ ହୋଇଅଛି, କୁଣ୍ଡସବୁ ଉଚ୍ଛୁଳି ପଡ଼ୁଅଛି; କାରଣ ସେମାନଙ୍କର ଦୁଷ୍ଟତା ବଡ଼ ।

14ଦଣ୍ଡାଜ୍ଞାର ଉପତ୍ୟକାରେ ଲୋକାରଣ୍ୟ, ଲୋକାରଣ୍ୟ ! କାରଣ ଦଣ୍ଡାଜ୍ଞାର ଉପତ୍ୟକାରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ ହୋଇଅଛି ।

15ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୋଇଅଛନ୍ତି ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରୁଅଛନ୍ତି ।

16ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ଆକାଶମଣ୍ଡଳ ଓ ପୃଥିବୀ କମ୍ପିତ ହେବେ; ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟ ହେବେ ଓ ଇସ୍ରାଏଲ ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗ ହେବେ ।

17“ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଆପଣା ପବିତ୍ର ପର୍ବତ ସିୟୋନରେ ବାସ କରୁ, ଏହା ତୁମ୍ଭେମାନେ ଜାଣିବ; ତହିଁରେ ଯିରୂଶାଲମ ପବିତ୍ର ହେବ ଓ ବିଦେଶୀୟମାନେ ତହିଁ ମଧ୍ୟଦେଇ ଆଉ ଗମନାଗମନ କରିବେ ନାହିଁ ।

18ସେଦିନ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବେ, ଉପପର୍ବତଗଣ ଦୁଗ୍ଧରେ ପ୍ରବାହିତ ହେବେ ଓ ଯିହୁଦାର ନଦୀ ସ୍ରୋତସକଳ ଜଳରେ ପ୍ରବାହିତ ହେବେ; ପୁଣି, ସଦାପ୍ରଭୁଙ୍କ ଗୃହରୁ ଏକ ନିର୍ଝର ନିର୍ଗତ ହେବ, ତାହା ଶିଟୀମର ଉପତ୍ୟକାକୁ ଜଳମୟ କରିବ ।

19ଯିହୁଦାର ସନ୍ତାନଗଣ ପ୍ରତି କୃତ ଉପଦ୍ରବ ସକାଶୁ ମିସର ଧ୍ୱଂସସ୍ଥାନ ହେବ ଓ ଇଦୋମ ଧ୍ୱଂସିତ ପ୍ରାନ୍ତର ହେବ, କାରଣ ସେମାନେ ଆପଣାମାନଙ୍କ ଦେଶରେ ନିର୍ଦ୍ଦୋଷର ରକ୍ତପାତ କରିଅଛନ୍ତି ।

20ମାତ୍ର ଯିହୁଦା ଚିରକାଳ ଓ ଯିରୂଶାଲମ ପୁରୁଷାନୁକ୍ରମେ ରହିବ ।

21ପୁଣି, ଆମ୍ଭେ ସେମାନଙ୍କର ଯେଉଁ ରକ୍ତକୁ ନିର୍ଦ୍ଦୋଷ କରି ନାହୁଁ, ତାହା ନିର୍ଦ୍ଦୋଷ କରିବା ।” କାରଣ ସଦାପ୍ରଭୁ ସିୟୋନରେ ବାସ କରନ୍ତି ।


  Share Facebook  |  Share Twitter

 <<  Joel 3 >> 


Bible2india.com
© 2010-2024
Help
Dual Panel

Laporan Masalah/Saran