1ଅନନ୍ତର ଆହାବ ଏଲୀୟଙ୍କର କୃତ ସମସ୍ତ କର୍ମର ବୃତ୍ତାନ୍ତ ଓ ସେ କିପରି ଖଡ଼୍ଗରେ ସମସ୍ତ ଭବିଷ୍ୟଦ୍ବକ୍ତାଙ୍କୁ ବଧ କରିଥିଲେ, ତାହା ଈଷେବଲ୍କୁ ଜଣାଇଲେ ।
2ତହିଁରେ ଈଷେବଲ୍ ଏଲୀୟଙ୍କ ନିକଟକୁ ଦୂତ ପଠାଇ ଏହି କଥା କହିଲା, "ପ୍ରାୟ କାଲି ଏହି ସମୟକୁ ଯେବେ ମୁଁ ତୁମ୍ଭ ପ୍ରାଣକୁ ସେମାନଙ୍କ ଜଣକର ପ୍ରାଣ ତୁଲ୍ୟ ନ କରେ, ତେବେ ଦେବତାମାନେ ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ"।
3ତହୁଁ ଏଲୀୟ ଏହା ଦେଖି ଆପଣା ପ୍ରାଣ ସକାଶେ ଉଠିଯାଇ ଯିହୂଦାର ବେର୍ଶେବାରେ ଉପସ୍ଥିତ ହେଲେ ଓ ସେଠାରେ ଆପଣା ଦାସକୁ ଛାଡ଼ିଲେ ।
4ମାତ୍ର ସେ ଆପେ ପ୍ରାନ୍ତର ଭିତରକୁ ଦିନକର ପଥ ଯାଇ ଏକ ରୋତମବୃକ୍ଷ ମୂଳରେ ଉପସ୍ଥିତ ହୋଇ ବସିଲେ ଓ ଆପଣା ମୃତ୍ୟୁ-ପ୍ରାର୍ଥନା କରି କହିଲେ, "ଯଥେଷ୍ଟ ହେଲାଣି; ଏବେ ହେ ସଦାପ୍ରଭୁ, ମୋର ପ୍ରାଣ ନିଅ; କାରଣ ମୁଁ ଆପଣା ପୂର୍ବପୁରୁଷମାନଙ୍କଠାରୁ ଭଲ ନୁହେଁ"।
5ତହୁଁ ସେ ରୋତମବୃକ୍ଷ ମୂଳେ ଶୟନ କରି ନିଦ୍ରା ଗଲେ; ଏଥିରେ ଦେଖ, ଏକ ଦୂତ ତାଙ୍କୁ ସ୍ପର୍ଶ କରି କହିଲେ, "ଉଠ, ଭୋଜନ କର"।
6ତହିଁରେ ସେ ଅନାନ୍ତେ, ଦେଖ, ତାଙ୍କ ମସ୍ତକ ପାଖରେ ଅଙ୍ଗାରରେ ପକ୍ୱ ଏକ ପିଠା ଓ ଏକ ପାତ୍ର ଜଳ ଅଛି । ଏଣୁ ସେ ଭୋଜନ ପାନ କରି ପୁନର୍ବାର ଶୟନ କଲେ ।
7ଏଉତ୍ତାରେ ସଦାପ୍ରଭୁଙ୍କ ଦୂତ ପୁନର୍ବାର ଦ୍ୱିତୀୟ ଥର ଆସି ତାଙ୍କୁ ସ୍ପର୍ଶ କରି କହିଲେ, "ଉଠ, ଭୋଜନ କର; କାରଣ ତୁମ୍ଭ ଶକ୍ତିରୁ ପଥ ଅଧିକ"।
8ତହୁଁ ସେ ଉଠି ଭୋଜନ ପାନ କଲେ ଓ ସେହି ଖାଦ୍ୟର ବଳରେ ପରମେଶ୍ୱରଙ୍କ ପର୍ବତ ହୋରେବ ପର୍ଯ୍ୟନ୍ତ ଚାଳିଶ ଦିନ ଓ ଚାଳିଶ ରାତ୍ରି ଗମନ କଲେ ।
9ଆଉ ସେ ସେଠାସ୍ଥିତ ଏକ ଗହ୍ୱରରେ ଉପସ୍ଥିତ ହୋଇ ରାତ୍ରି କ୍ଷେପଣ କଲେ; ସେତେବେଳେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ନିକଟରେ ଉପସ୍ଥିତ ହେଲା ଓ ସେ ତାଙ୍କୁ କହିଲେ, "ଏଲୀୟ, ତୁମ୍ଭେ ଏଠାରେ କ'ଣ କରୁଅଛ ?"
10ତହୁଁ ଏଲୀୟ କହିଲେ, "ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭର ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍ବକ୍ତାମାନଙ୍କୁ ଖଡ଼୍ଗରେ ବଧ କଲେ ; ତହିଁରେ ମୁଁ, କେବଳ ମୁଁ ଅବଶିଷ୍ଟ ରହିଲି ; ଆଉ ସେମାନେ ମୋ' ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି"।
11ଏଥିରେ ସେ କହିଲେ, "ତୁମ୍ଭେ ବାହାର ହୋଇ ଏହି ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୁଅ"। ଆଉ ଦେଖ, ସଦାପ୍ରଭୁ ନିକଟ ଦେଇ ଗମନ କଲେ, ତହିଁରେ ପ୍ରବଳ ଓ ପ୍ରଚଣ୍ଡ ବାୟୁ ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗଣକୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ଡ ଖଣ୍ଡ କଲା; ମାତ୍ର ସଦାପ୍ରଭୁ ସେହି ବାୟୁରେ ନ ଥିଲେ; ପୁଣି, ବାୟୁ ଉତ୍ତାରେ ଭୂମିକମ୍ପ ହେଲା; ମାତ୍ର ସଦାପ୍ରଭୁ ସେହି ଭୂମିକମ୍ପରେ ନ ଥିଲେ ।
12ଆଉ ଭୂମିକମ୍ପ ଉତ୍ତାରେ ଅଗ୍ନି ହେଲା; ମାତ୍ର ସଦାପ୍ରଭୁ ସେହି ଅଗ୍ନିରେ ନ ଥିଲେ; ପୁଣି, ଅଗ୍ନି ଉତ୍ତାରେ ଏକ ଶାନ୍ତ କ୍ଷୁଦ୍ର ରବ ହେଲା ।
13ତହୁଁ ଏଲୀୟ ତାହା ଶୁଣନ୍ତେ, ଆପଣା ବସ୍ତ୍ରରେ ମୁଖ ଆଚ୍ଛାଦନ କରି ବାହାରେ ଯାଇ ଗହ୍ୱର-ମୁଖ ନିକଟରେ ଠିଆ ହେଲେ । ତହିଁରେ ଦେଖ, ଏକ ରବ ତାଙ୍କ ନିକଟରେ ଉପସ୍ଥିତ ହୋଇ କହିଲା, "ଏଲୀୟ, ତୁମ୍ଭେ ଏଠାରେ କଅଣ କରୁଅଛ ?"
14ତହୁଁ ସେ କହିଲେ, "ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭ ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍ବକ୍ତାମାନଙ୍କୁ ଖଡ଼୍ଗରେ ବଧ କଲେ; ତହିଁରେ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋହର ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି "।
15ସେତେବେଳେ ସଦାପ୍ରଭୁ ତାଙ୍କୁ କହିଲେ, "ଆପଣା ପଥରେ ଫେରି ଦମ୍ମେଶକ ପ୍ରାନ୍ତରକୁ ଯାଅ; ଆଉ ତୁମ୍ଭେ ସେଠାରେ ଉପସ୍ଥିତ ହେଲେ, ହସାୟେଲକୁ ଅରାମ ଉପରେ ରାଜାଭିଷିକ୍ତ କର;
16ଆଉ ନିମ୍ଶିର ପୁତ୍ର ଯେହୂଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କର; ଆଉ ଆବେଲ୍ ମହୋଲା ନିବାସୀ ଶାଫଟର ପୁତ୍ର ଇଲୀଶାୟଙ୍କୁ ତୁମ୍ଭ ପଦରେ ଭବିଷ୍ୟଦ୍ବକ୍ତା କରି ଅଭିଷେକ କର ।
17ତହିଁରେ ଯେଉଁ ଲୋକ ହସାୟେଲର ଖଡ଼୍ଗରୁ ବଞ୍ଚିବ, ଯେହୂ ତାହାଙ୍କୁ ବଧ କରିବ ଓ ଯେ ଯେହୂର ଖଡ଼୍ଗରୁ ବଞ୍ଚିବ, ତାହାକୁ ଇଲୀଶାୟ ବଧ କରିବ ।
18ତଥାପି ଆମ୍ଭେ ଇସ୍ରାଏଲ ମଧ୍ୟରେ ଆପଣା ପାଇଁ ସାତ ସହସ୍ର ଲୋକ ଅବଶିଷ୍ଟ ରଖିବା, ସେ ସମସ୍ତଙ୍କ ଆଣ୍ଠୁ ବାଲ୍ ସମ୍ମୁଖରେ ନତ ହୋଇ ନାହିଁ ଓ ସେ ପ୍ରତ୍ୟେକର ମୁଖ ତାହାକୁ ଚୁମ୍ବନ କରି ନାହିଁ"।
19ଏଥିରେ ଏଲୀୟ ଏଠାରୁ ପ୍ରସ୍ଥାନ କରି ଶାଫଟର ପୁତ୍ର ଇଲୀଶାୟଙ୍କର ସନ୍ଧାନ ପାଇଲେ । ସେସମୟରେ ସେ ହଳ ବୁଲାଉଥିଲେ, ତାଙ୍କ ଆଗରେ ବାର ହଳ ବଳଦ ଥିଲେ, ପୁଣି, ସେ ଦ୍ୱାଦଶ ହଳରେ ଥିଲେ; ତହିଁରେ ଏଲୀୟ ତାଙ୍କ ନିକଟକୁ ଯାଇ ଆପଣା ବସ୍ତ୍ର ତାଙ୍କ ଉପରେ ପକାଇଲେ ।
20ତହିଁରେ ସେ ବଳଦ ଛାଡ଼ି ଏଲୀୟଙ୍କ ପଛେ ଦୌଡ଼ି ତାଙ୍କୁ କହିଲେ, "ବିନୟ କରୁଅଛି, ମୋ' ପିତା ଓ ମାତାଙ୍କୁ ଚୁମ୍ବନ ଦେବା ପାଇଁ ଅନୁମତି ଦେଉନ୍ତୁ, ତହିଁ ଉତ୍ତାରେ ମୁଁ ଆପଣଙ୍କ ପଛେ ଯିବି"। ତହୁଁ ଏଲୀୟ ତାଙ୍କୁ କହିଲେ, "ଫେରିଯାଅ; କିନ୍ତୁ ଚିନ୍ତାକର ଆମ୍ଭେ ତୁମ୍ଭର କଅଣ କଲୁ"।
21ତହିଁରେ ସେ ତାଙ୍କ ପଶ୍ଚାତ୍ଗମନରୁ ଫେରିଗଲେ ଓ ସେହି ବଳଦ ହଳକ ନେଇ ବଧ କରି ଯୁଆଳି କାଠରେ ସେହି ମାଂସ ସିଦ୍ଧ କରି ଲୋକମାନଙ୍କୁ ଦିଅନ୍ତେ, ସେମାନେ ଭୋଜନ କଲେ । ତହୁଁ ସେ ଉଠି ଏଲୀୟଙ୍କର ପଶ୍ଚାତ୍ଗମନ କରି ତାଙ୍କର ପରିଚର୍ଯ୍ୟା କଲେ ।