1ଜ୍ଞାନବାନ୍ ପୁତ୍ର ଆପଣା ପିତାର ଉପଦେଶ ଶୁଣେ; ମାତ୍ର ନିନ୍ଦକ ଅନୁଯୋଗ ଶୁଣେ ନାହିଁ ।
2ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳ ଭୋଗ କରେ; ମାତ୍ର ବିଶ୍ୱାସଘାତକର ପ୍ରାଣ ଦୌରାତ୍ମ୍ୟ ଭୋଗ କରେ ।
3ଯେଉଁ ଲୋକ ଆପଣା ମୁଖରେ ପ୍ରହରୀ ରଖେ, ସେ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଯେକେହି ଚିନ୍ତା ନ କରି କଥା କହେ, ତାହାର ବିନାଶ ହେବ ।
4ଅଳସୁଆ ମନରେ ବାଞ୍ଛା କଲେ ହେଁ କିଛି ପାଏ ନାହିଁ, ମାତ୍ର କର୍ମଶୀଳ ପ୍ରାଣ ହୃଷ୍ଟପୁଷ୍ଟ ହେବ ।
5ଧାର୍ମିକ ଲୋକ ମିଥ୍ୟାକୁ ଘୃଣା କରେ; ମାତ୍ର ଦୁଷ୍ଟ ଲୋକ ଦୁର୍ଗନ୍ଧ ସ୍ୱରୂପ, ଆଉ ସେ ଲଜ୍ଜା ଭୋଗ କରେ ।
6ଧାର୍ମିକତା ସରଳ-ପଥଗାମୀକୁ ରକ୍ଷା କରେ; ମାତ୍ର ଦୁଷ୍ଟତା ପାପୀକୁ ଓଲଟାଇ ପକାଏ ।
7କେହି ଆପଣାକୁ ଧନୀ ଦେଖାଏ, କିନ୍ତୁ ତାହାର କିଛି ହିଁ ନାହିଁ; କେହି ବା ଆପଣାକୁ ଦରିଦ୍ର ଦେଖାଏ, କିନ୍ତୁ ତାହାର ମହାଧନ ଅଛି ।
8ମନୁଷ୍ୟର ଧନ ତାହାର ପ୍ରାଣର ପ୍ରାୟଶ୍ଚିତ୍ତ ସ୍ୱରୂପ; ମାତ୍ର ଦରିଦ୍ର ଲୋକ ଧମକ ଶୁଣେ ନାହିଁ ।
9ଧାର୍ମିକର ଦୀପ୍ତି ଆନନ୍ଦ କରେ; ମାତ୍ର ଦୁଷ୍ଟମାନଙ୍କର ପ୍ରଦୀପ ନିଭାଯିବ ।
10ଅହଙ୍କାରରୁ କେବଳ କଳି ଉତ୍ପନ୍ନ ହୁଏ; ମାତ୍ର ସୁପରାମର୍ଶ-ଗ୍ରାହକଠାରେ ଜ୍ଞାନ ଅଛି ।
11ମିଥ୍ୟାରେ ପ୍ରାପ୍ତ ଧନ କ୍ଷୟ ପାଇବ, ମାତ୍ର ହସ୍ତରେ ଅର୍ଜିତ ଧନ ବଢ଼ିଯିବ ।
12ଆଶାସିଦ୍ଧିର ବିଳମ୍ବ ମନର ପୀଡ଼ାଜନକ; ମାତ୍ର ବାଞ୍ଛାର ସିଦ୍ଧି ଜୀବନ-ବୃକ୍ଷ ସ୍ୱରୂପ ।
13ଯେଉଁ ଲୋକ ଉପଦେଶ ତୁଚ୍ଛ କରେ, ସେ ଆପଣା ଉପରକୁ ବିନାଶ ଆଣେ; ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହେବ ।
14ମୃତ୍ୟୁର ଫାନ୍ଦରୁ ଫେରାଇବା ପାଇଁ ଜ୍ଞାନବାନ୍ର ବ୍ୟବସ୍ଥା ଜୀବନ-ଝର ସ୍ୱରୂପ ଅଟେ ।
15ସୁବୁଦ୍ଧିର ଫଳ ଅନୁଗ୍ରହ, ମାତ୍ର ବିଶ୍ୱାସଘାତକର ପଥ କଠିନ ଅଟେ ।
16ପ୍ରତ୍ୟେକ ଚତୁର ଲୋକ ବୁଦ୍ଧିରେ କର୍ମ କରେ; ମାତ୍ର ମୂର୍ଖ ଅଜ୍ଞାନତା ବିସ୍ତାର କରେ ।
17ଦୁଷ୍ଟ ବାର୍ତ୍ତାବାହକ ଆପଦରେ ପଡ଼େ; ମାତ୍ର ବିଶ୍ୱସ୍ତ ଦୂତ ସ୍ୱାସ୍ଥ୍ୟଜନକ ।
18ଯେଉଁ ଜନ ଶାସନ ଅଗ୍ରାହ୍ୟ କରେ, ସେ ଦରିଦ୍ରତା ଓ ଲଜ୍ଜା ପାଏ; ମାତ୍ର ଯେ ଅନୁଯୋଗ ଘେନେ, ସେ ମର୍ଯ୍ୟାଦା ପାଇବ ।
19ବାଞ୍ଛାସିଦ୍ଧି ପ୍ରାଣକୁ ମିଷ୍ଟ ଲାଗେ; ପୁଣି, ମନ୍ଦ ତ୍ୟାଗ କରିବାର ମୂର୍ଖ ଲୋକର ଘୃଣା ବିଷୟ ।
20ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ ।
21ପାପୀମାନଙ୍କ ପଛେ ମନ୍ଦ ଗୋଡ଼ାଏ; ମାତ୍ର ଧାର୍ମିକମାନଙ୍କୁ ମଙ୍ଗଳରୂପ ପୁରସ୍କାର ଦତ୍ତ ହେବ ।
22ଉତ୍ତମ ଲୋକ ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିଯାଏ; ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ ।
23ଦରିଦ୍ରର ଚାଷ ଦ୍ୱାରା ଖାଦ୍ୟର ବାହୁଲ୍ୟ ହୁଏ; ମାତ୍ର ଅନ୍ୟାୟ ସକାଶୁ କାହାର କାହାର ବିନାଶ ହୁଏ ।
24ଯେ ବାଡ଼ି ବ୍ୟବହାର କରିବାକୁ ତ୍ରୁଟି କରେ, ସେ ଆପଣା ପୁତ୍ରକୁ ଘୃଣା କରେ; ପୁଣି ଯେ ତାହାକୁ ପ୍ରେମ କରେ, ସେ ଯଥାକାଳରେ ଶାସ୍ତି ଦିଏ ।
25ଧାର୍ମିକ ଆପଣା ପ୍ରାଣର ତୃପ୍ତି ପର୍ଯ୍ୟନ୍ତ ଖାଏ, ମାତ୍ର ପାପୀର ଉଦର ଅତୃପ୍ତ ଥାଏ ।