1ଜ୍ଞାନବତୀ ସ୍ତ୍ରୀ ଆପଣା ଗୃହ ଗୁନ୍ଥେ; ମାତ୍ର ଅଜ୍ଞାନ ସ୍ୱହସ୍ତରେ ତାହା ଭାଙ୍ଗି ପକାଏ ।
2ଯେ ଆପଣା ସରଳତାରେ ଆଚରଣ କରେ, ସେ ସଦାପ୍ରଭୁଙ୍କୁ ଭୟ କରେ; ମାତ୍ର ବିପଥଗାମୀ ତାହାଙ୍କୁ ତୁଚ୍ଛ କରେ ।
3ଅଜ୍ଞାନର ମୁଖରେ ଅହଙ୍କାରର ଠେଙ୍ଗା ଥାଏ; ମାତ୍ର ଜ୍ଞାନବାନ୍ ଲୋକଙ୍କ ଓଷ୍ଠାଧର ସେମାନଙ୍କୁ ରକ୍ଷା କରେ ।
4ଗୋରୁ ନ ଥିଲେ, କୁଣ୍ଡ ନିର୍ମଳ ଥାଏ; ପୁଣି, ଗୋରୁର ବଳରେ ବହୁ ସମ୍ପତ୍ତି ଉତ୍ପନ୍ନ ହୁଏ ।
5ବିଶ୍ୱସ୍ତ ସାକ୍ଷୀ ମିଥ୍ୟା କହେ ନାହିଁ; କିନ୍ତୁ ଅସତ୍ୟ ସାକ୍ଷୀ ମିଥ୍ୟା ଉଚ୍ଚାରଣ କରେ ।
6ନିନ୍ଦକ ଜ୍ଞାନ ଖୋଜିଲେ ପାଏ ନାହିଁ; ମାତ୍ର ବୁଦ୍ଧିମାନ୍ ପାଇଁ ବିଦ୍ୟା ସହଜ ।
7ମୂର୍ଖ ନିକଟକୁ ଗଲେ, ତୁମ୍ଭେ ତାହାର ଜ୍ଞାନଯୁକ୍ତ ଓଷ୍ଠାଧର ଦେଖିବ ନାହିଁ ।
8ଆପଣା ପଥ ବିବେଚନା କରିବା ଚତୁର ଲୋକର ଜ୍ଞାନ; ମାତ୍ର ପ୍ରବଞ୍ଚନା ମୂର୍ଖମାନଙ୍କର ଅଜ୍ଞାନତା ମାତ୍ର ।
9ଅଜ୍ଞାନମାନେ ଦୋଷକୁ କୌତୁକ ମଣନ୍ତି; ମାତ୍ର ସରଳ ଲୋକମାନଙ୍କ ମଧ୍ୟରେ ଅନୁଗ୍ରହ ଥାଏ ।
10ଅନ୍ତଃକରଣ ଆପଣାର ତିକ୍ତତା ଜାଣେ; ପୁଣି, ଅପରିଚିତ ଲୋକ ତାହାର ଆନନ୍ଦରେ ଭାଗୀ ହୁଏ ନାହିଁ ।
11ଦୁଷ୍ଟମାନଙ୍କ ଗୃହ ନିପାତ ହେବ; ମାତ୍ର ସରଳ ଲୋକମାନଙ୍କ ତମ୍ବୁ ଉନ୍ନତ ହେବ ।
12ମନୁଷ୍ୟର ଦୃଷ୍ଟିରେ କୌଣସି କୌଣସି ପଥ ସରଳ ଦେଖାଯାଏ; ମାତ୍ର ତାହାର ଶେଷରେ ମୃତ୍ୟୁର ପଥ ଥାଏ ।
13ହାସ୍ୟକାଳରେ ମଧ୍ୟ ମନୋଦୁଃଖ ହୁଏ; ପୁଣି, ଆନନ୍ଦର ଶେଷ ଶୋକ ।
14ଅନ୍ତଃକରଣରେ ବିପଥଗାମୀ ଆପଣା ଆଚରଣର ଫଳରେ ପରିପୂର୍ଣ୍ଣ ହେବ; ପୁଣି, ଉତ୍ତମ ଲୋକ ଆପଣାରୁ ପରିତୃପ୍ତ ହେବ ।
15ନିର୍ବୋଧ ଲୋକ ସବୁ କଥା ବିଶ୍ୱାସ କରେ; ମାତ୍ର ଚତୁର ଲୋକ ଆପଣାର ସବୁ ଗତି ଭଲ କରି ବୁଝେ ।
16ଜ୍ଞାନୀ ଲୋକ ଭୟ କରେ ଓ ମନ୍ଦକୁ ଛାଡ଼ି ଦିଏ; ମାତ୍ର ମୂର୍ଖ ଲୋକ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ ।
17ଯେ ହଠାତ୍ କ୍ରୋଧୀ, ସେ ଅଜ୍ଞାନର କର୍ମ କରେ; ପୁଣି, କୁକଳ୍ପନାକାରୀ ନିର୍ବୋଧ ମନୁଷ୍ୟ ଘୃଣାର ପାତ୍ର ।
18ଅସତର୍କ ଲୋକମାନେ ଅଜ୍ଞାନତାରୂପ ଅଧିକାର ପା'ନ୍ତି; ମାତ୍ର ଚତୁର ଲୋକେ ଜ୍ଞାନରୂପ ମୁକୁଟରେ ବିଭୂଷିତ ହୁଅନ୍ତି ।
19ମନ୍ଦ ଲୋକେ ଉତ୍ତମ ଲୋକମାନଙ୍କ ଛାମୁରେ ଓ ଦୁଷ୍ଟମାନେ ଧାର୍ମିକଗଣର ଦ୍ୱାରରେ ଦଣ୍ଡବତ କରନ୍ତି ।
20ଦରିଦ୍ର ଆପଣା ପ୍ରତିବାସୀର ହିଁ ଘୃଣିତ ହୁଏ; ମାତ୍ର ଧନବାନର ଅନେକ ବନ୍ଧୁ ଥା'ନ୍ତି ।
21ଯେଉଁ ଲୋକ ପ୍ରତିବାସୀକୁ ତୁଚ୍ଛ ବୋଧ କରେ, ସେ ପାପ କରେ; ମାତ୍ର ଯେଉଁ ଜନ ଦରିଦ୍ରକୁ ଦୟା କରେ, ସେ ଧନ୍ୟ ।
22ଅନିଷ୍ଟଚିନ୍ତାକାରୀଗଣ କ'ଣ ଭ୍ରାନ୍ତ ହୁଅନ୍ତି ନାହିଁ ? ମାତ୍ର ମଙ୍ଗଳଚିନ୍ତାକାରୀଗଣ ପ୍ରତି ଦୟା ଓ ସତ୍ୟତା ବର୍ତ୍ତେ ।
23ସବୁ ପ୍ରକାର ପରିଶ୍ରମରେ ଫଳ ଅଛି; ପୁଣି, ଓଷ୍ଠାଧରର କଥାମାତ୍ର କେବଳ ଦରିଦ୍ରତାରେ ପ୍ରବର୍ତ୍ତାଏ ।
24ଜ୍ଞାନୀମାନଙ୍କ ମୁକୁଟ ସେମାନଙ୍କର ଧନ; ପୁଣି, ମୂର୍ଖମାନଙ୍କର ଅଜ୍ଞାନତା କେବଳ ଅଜ୍ଞାନତା ।
25ସତ୍ୟ ସାକ୍ଷୀ ଅନ୍ୟର ଜୀବନକୁ ରକ୍ଷା କରେ; ମାତ୍ର ମିଥ୍ୟାବାଦୀ ପ୍ରବଞ୍ଚନାଜନକ ।
26ସଦାପ୍ରଭୁ ବିଷୟକ ଭୟ ଦୃଢ଼ ବିଶ୍ୱାସଭୂମି; ଆଉ, ତାହାଙ୍କ ସନ୍ତାନମାନେ ଆଶ୍ରୟ ସ୍ଥାନ ପାଇବେ ।
27ମୃତ୍ୟୁର ଫାନ୍ଦରୁ ଫେରାଇବା ପାଇଁ ସଦାପ୍ରଭୁ ବିଷୟକ ଭୟ ଜୀବନର ଝର ସ୍ୱରୂପ ।
28ପ୍ରଜା ବାହୁଲ୍ୟରେ ରାଜାର ସମ୍ଭ୍ରମ; ପୁଣି, ପ୍ରଜା ଅଭାବରେ ଭୂପତିର ବିନାଶ ।
29ଯେ କ୍ରୋଧ କରିବାରେ ଧୀର, ସେ ବଡ଼ ବୁଦ୍ଧିମାନ୍; ପୁଣି, ହଠାତ୍ କ୍ରୋଧୀ ଅଜ୍ଞାନତାରୂପ ଧ୍ୱଜା ଟେକେ ।
30ଶାନ୍ତ ଅନ୍ତଃକରଣ ଦେହର ଜୀବନ ସ୍ୱରୂପ; ପୁଣି, ଈର୍ଷା ହାଡ଼ର କ୍ଷୟ ସ୍ୱରୂପ ।
31ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ଯେ ଦରିଦ୍ରକୁ ଦୟା କରେ, ସେ ତାହାଙ୍କୁ ଆଦର କରେ ।
32ଦୁଷ୍ଟ ଲୋକ ଆପଣା ମନ୍ଦକର୍ମରେ ବିନାଶ ହୁଏ , ମାତ୍ର ମରଣକାଳରେ ଧାର୍ମିକର ଆଶ୍ରୟ ଥାଏ ।
33ଜ୍ଞାନ ବୁଦ୍ଧିମାନ୍ର ହୃଦୟରେ ଥାଏ; ପୁଣି, ମୂର୍ଖର ଆନ୍ତରିକ ଭାବ ଜଣାଯିବ ।
34ଧାର୍ମିକତା ରାଜ୍ୟର ଉନ୍ନତି ଜନ୍ମାଏ; ମାତ୍ର ପାପ ନରଗଣର ଅପମାନ ।
35ବୁଦ୍ଧିମାନ୍ ଦାସ ରାଜାଙ୍କର ଅନୁଗ୍ରହପାତ୍ର; ପୁଣି, ଯେ ଲଜ୍ଜା ଜନ୍ମାଏ, ତାହା ପ୍ରତି ସେ କ୍ରୋଧ କରନ୍ତି ।