1ଯେଉଁ ଲୋକ ଥରକୁ ଥର ଅନୁଯୋଗ ପାଇଲେ ହେଁ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନୁ ହଠାତ୍ ଭଗ୍ନ ହେବ ।
2ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେଲେ, ଲୋକମାନେ ଆନନ୍ଦ କରନ୍ତି; ମାତ୍ର ଦୁଷ୍ଟ ଲୋକ କର୍ତ୍ତୃତ୍ୱ ପାଇଲେ, ଲୋକମାନେ ଆର୍ତ୍ତସ୍ୱର କରନ୍ତି ।
3ଯେଉଁ ଲୋକ ଜ୍ଞାନକୁ ସ୍ନେହ କରେ, ସେ ଆପଣା ପିତାକୁ ଆନନ୍ଦିତ କରେ; ମାତ୍ର ଯେ ବେଶ୍ୟାମାନଙ୍କଠାରେ ଅନୁରକ୍ତ, ସେ ଆପଣା ସମ୍ପତ୍ତି ଉଡ଼ାଇ ଦିଏ ।
4ରାଜା ସୁବିଚାର ଦ୍ୱାରା ଦେଶ ସୁସ୍ଥିର କରେ; ମାତ୍ର ଯେ ଉପହାରପ୍ରିୟ, ସେ ତାହା ଉଜାଡ଼ି ପକାଏ ।
5ଯେଉଁ ଲୋକ ଆପଣା ପ୍ରତିବାସୀର ଚାଟୁବାଦ କରେ, ସେ ତାହାର ପାଦ ପାଇଁ ଜାଲ ପ୍ରସାରେ ।
6ମନ୍ଦ ଲୋକର ଅଧର୍ମରେ ଫାନ୍ଦ ଥାଏ; ମାତ୍ର ଧାର୍ମିକ ଗାନ ଓ ଆନନ୍ଦ କରେ ।
7ଧାର୍ମିକ ଲୋକ ଦୀନହୀନମାନଙ୍କ ଗୁହାରି ବିଷୟରେ ବିଜ୍ଞ; ମାତ୍ର ତାହା ଜାଣିବା ପାଇଁ ଦୁଷ୍ଟ ଲୋକର ବୁଦ୍ଧି ନାହିଁ ।
8ନିନ୍ଦକମାନେ ନଗରକୁ ପ୍ରଜ୍ୱଳିତ କରନ୍ତି; ମାତ୍ର ଜ୍ଞାନୀମାନେ କ୍ରୋଧ ନିବାରଣ କରନ୍ତି ।
9ଅଜ୍ଞାନ ସହିତ ଜ୍ଞାନବାନ୍ର ବିବାଦ ହେଲେ, ସେ କ୍ରୋଧ କଲେ କି ହସିଲେ, କିଛି ଶାନ୍ତି ନାହିଁ ।
10ରକ୍ତପାତପ୍ରିୟ ଲୋକମାନେ ସିଦ୍ଧ ବ୍ୟକ୍ତିକୁ ଘୃଣା କରନ୍ତି; ପୁଣି, ସେମାନେ ସରଳ ଲୋକର ପ୍ରାଣ ଖୋଜନ୍ତି ।
11ମୂର୍ଖ ଆପଣାର ସବୁ କ୍ରୋଧ ପ୍ରକାଶ କରେ; ମାତ୍ର ଜ୍ଞାନୀ ତାହା ସମ୍ଭାଳି କ୍ଷାନ୍ତ କରେ ।
12ଶାସନକର୍ତ୍ତା ଯେବେ ମିଥ୍ୟା କଥାରେ କାନ ଡେରେ, ତେବେ ତାହାର ସେବକ ସବୁ ଦୁଷ୍ଟ ହୁଅନ୍ତି ।
13ଦରିଦ୍ର ଓ ଉପଦ୍ରବୀ ଏକତ୍ର ମିଳନ୍ତି, ସଦାପ୍ରଭୁ ଉଭୟର ଚକ୍ଷୁ ଦୀପ୍ତିମାନ କରନ୍ତି ।
14ଯେଉଁ ରାଜା ବିଶ୍ୱସ୍ତ ରୂପେ ଦୀନହୀନମାନଙ୍କର ବିଚାର କରେ, ତାହାର ସିଂହାସନ ସଦାକାଳ ସୁସ୍ଥିର ହେବ ।
15ବାଡ଼ି ଓ ଅନୁଯୋଗ ଜ୍ଞାନ ଦିଏ; ମାତ୍ର ପିଲାକୁ ତାହାର ଇଚ୍ଛାରେ ଛାଡ଼ିଦେଲେ, ସେ ତାହାର ମାତାକୁ ଲଜ୍ଜା ଦିଏ ।
16ଦୁଷ୍ଟ ଲୋକମାନେ ବର୍ଦ୍ଧିଷ୍ଣୁ ହେଲେ, ଅଧର୍ମ ବଢ଼େ; ମାତ୍ର ଧାର୍ମିକମାନେ ସେମାନଙ୍କର ନିପାତ ଦେଖିବେ ।
17ଆପଣା ପୁତ୍ରକୁ ଶାସ୍ତି ଦେଲେ, ସେ ତୁମ୍ଭକୁ ଶାନ୍ତି ଦେବ; ପୁଣି, ସେ ତୁମ୍ଭ ପ୍ରାଣକୁ ସୁଖ ଦେବ ।
18ଈଶ୍ୱରୀୟ ପ୍ରତ୍ୟାଦେଶ ଅଭାବରେ ଲୋକମାନେ ବିନଷ୍ଟ ହୁଅନ୍ତି; ମାତ୍ର ଯେଉଁ ଲୋକ ବ୍ୟବସ୍ଥା ପାଳେ, ସେ ଧନ୍ୟ ।
19କଥାମାତ୍ରରେ ଦାସର ଦମନ ହୁଏ ନାହିଁ; ଯେହେତୁ ସେ ବୁଝିଲେ ହେଁ ମନୋଯୋଗ କରେ ନାହିଁ ।
20ତୁମ୍ଭେ କି କଥାରେ ଚଞ୍ଚଳ ଲୋକକୁ ଦେଖୁଅଛ ? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି ।
21ଯେ ପିଲାଦିନୁ ଆପଣା ଦାସକୁ ଗେହ୍ଲା କରି ପାଳେ, ଶେଷରେ ସେହି ଦାସ ତାହାର ପୁତ୍ର ହୋଇ ଉଠେ ।
22କ୍ରୋଧୀ ଲୋକ ବିବାଦ ଜନ୍ମାଏ, ପୁଣି, ରାଗାନ୍ଧ ଲୋକ ବହୁତ ଅଧର୍ମ କରେ ।
23ମନୁଷ୍ୟର ଅହଙ୍କାର ତାହାକୁ ନତ କରିବ; ମାତ୍ର ଯାହାର ଆତ୍ମା ବିନତ, ସେ ସମ୍ମାନ ପାଇବ ।
24ଚୋରର ଭାଗୀ ଆପଣା ପ୍ରାଣକୁ ଘୃଣା କରେ, ସେ ରାଣ କରାଇବାର କଥା ଶୁଣେ, କିନ୍ତୁ କିଛି ପ୍ରକାଶ କରେ ନାହିଁ ।
25ଲୋକଭୟ ଫାନ୍ଦଜନକ; ମାତ୍ର ସଦାପ୍ରଭୁଙ୍କ ଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ ।
26ଅନେକେ ଶାସନକର୍ତ୍ତାର ଅନୁଗ୍ରହ ଚାହାନ୍ତି; ମାତ୍ର ମନୁଷ୍ୟର ବିଚାର ସଦାପ୍ରଭୁଙ୍କଠାରୁ ହୁଏ ।
27ଅଧର୍ମକାରୀ ଲୋକ ଧାର୍ମିକର ଘୃଣା ବିଷୟ, ପୁଣି, ସରଳପଥଗାମୀ ଦୁଷ୍ଟ ଲୋକର ଘୃଣା ବିଷୟ ହୁଏ ।