1ହେ ମୋହର ପୁତ୍ର, ମୋ' ଜ୍ଞାନରେ ମନ ଦିଅ; ମୋ' ବୁଦ୍ଧି ପ୍ରତି ତୁମ୍ଭ କାନ ଡେର;
2ଯେପରି ତୁମ୍ଭେ ପରିଣାମଦର୍ଶିତା ରକ୍ଷା କରି ପାରିବ ଓ ଯେପରି ତୁମ୍ଭ ଓଷ୍ଠାଧର ଜ୍ଞାନର କଥା ପାଳନ କରି ପାରିବ ।
3ଯେହେତୁ ପରସ୍ତ୍ରୀର ଓଷ୍ଠରୁ ଟୋପା ଟୋପା ମଧୁ କ୍ଷରେ, ତାହାର ମୁଖ ତୈଳ ଅପେକ୍ଷା ଅଧିକ ଚିକ୍କଣ ଅଟେ ।
4କିନ୍ତୁ ତାହାର ଶେଷ ଦଶା ନାଗଦଅଣା ନ୍ୟାୟ ପିତା, ଦ୍ୱିଧାର ଖଡ଼୍ଗ ତୁଲ୍ୟ ତୀକ୍ଷ୍ଣ ।
5ତାହାର ପାଦ ମୃତ୍ୟୁ ଆଡ଼କୁ ଓହ୍ଲାଇ ଯାଏ; ତାହାର ପାଦ ସିଧା କବରରେ ପଡ଼େ;
6ଏଣୁ ସେ ଜୀବନର ସମାନ ପଥ ପାଏ ନାହିଁ; ତାହାର ପଥସବୁ ଚଞ୍ଚଳ, ଆଉ ସେ ତାହା ଜାଣେ ନାହିଁ ।
7ଏହେତୁ ହେ ମୋହର ପୁତ୍ରମାନେ, ମୋ' କଥା ଶୁଣ ଏବଂ ମୋ' ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ ।
8ତାହା (ସେହି ସ୍ତ୍ରୀ) ଠାରୁ ଆପଣା ପଥ ଦୂରରେ ରଖ ଏବଂ ତାହାର ଗୃହର ଦ୍ୱାର ନିକଟକୁ ଯାଅ ନାହିଁ ।
9କେଜାଣି ତୁମ୍ଭେ ଅନ୍ୟମାନଙ୍କୁ ଆପଣା ଇଜ୍ଜତ ଓ ନିର୍ଦ୍ଦୟ ଲୋକଙ୍କୁ ଆପଣାର ପରମାୟୁ ଦେବ;
10କେଜାଣି ଅପରିଚିତ ଲୋକମାନେ ତୁମ୍ଭ ବଳରେ ପୂର୍ଣ୍ଣ ହେବେ ଏବଂ ତୁମ୍ଭ ଶ୍ରମର ଫଳ ବିଦେଶୀର ଗୃହରେ ଥୁଆ ଯିବ;
11ଆଉ ତୁମ୍ଭ ଶେଷ ଅବସ୍ଥାରେ ଯେତେବେଳେ ତୁମ୍ଭ ମାଂସ ଓ ଶରୀର କ୍ଷୟ ପାଏ, ତୁମ୍ଭେ କେଜାଣି ବିଳାପ କରିବ,
12ଆଉ କହିବ, ମୁଁ ଉପଦେଶ କିପରି ଘୃଣା କଲି ! ପୁଣି, ମୋହର ମନ ଅନୁଯୋଗକୁ କିପରି ତୁଚ୍ଛ କଲା !
13ମୁଁ ଆପଣା ଶିକ୍ଷକମାନଙ୍କ କଥା ମାନିଲି ନାହିଁ ଓ ଯେଉଁମାନେ ମୋତେ ଶିକ୍ଷା ଦେଲେ, ସେମାନଙ୍କ ବାକ୍ୟ ପ୍ରତି ଆପଣା କାନ ଡେରିଲି ନାହିଁ,
14ମୁଁ ସମାଜ ଓ ମଣ୍ଡଳୀ ମଧ୍ୟରେ ପ୍ରାୟ ସର୍ବପ୍ରକାର ଦୁର୍ଦ୍ଦଶାରେ ପଡ଼ିଲି ।
15ତୁମ୍ଭେ ନିଜ ଜଳାଶୟରୁ ଜଳ ପାନ କର ଓ ନିଜ କୂପରୁ ସ୍ରୋତଜଳ ପାନ କର ।
16ତୁମ୍ଭର ନିର୍ଝର କ'ଣ ବାହାରେ ଏଣେତେଣେ ବିସ୍ତାରିତ ହେବ ? ଓ ରାଜଦାଣ୍ଡରେ କ'ଣ ଜଳସ୍ରୋତ ବହିଯିବ ?
17ତାହା କେବଳ ତୁମ୍ଭର ହେଉ, ତୁମ୍ଭ ସହିତ ଅପରିଚିତ ଲୋକମାନଙ୍କର ନ ହେଉ ।
18ତୁମ୍ଭର ନିର୍ଝର ଧନ୍ୟ ହେଉ; ଆଉ, ତୁମ୍ଭେ ଆପଣା ଯୌବନକାଳର ଭାର୍ଯ୍ୟାଠାରେ ଆମୋଦ କର ।
19ସେ ପ୍ରେମିକା ହରିଣୀ ଓ ରୂପବତୀ ବାଉଟୀ ପରି, ତାହାର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ; ଆଉ, ତାହାର ପ୍ରେମରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ ।
20ହେ ମୋହର ପୁତ୍ର, ପରକୀୟାଠାରେ ତୁମ୍ଭେ କାହିଁକି ଆସକ୍ତ ହେବ ? ଏବଂ ଅନ୍ୟର କୋଳ କାହିଁକି ଆଲିଙ୍ଗନ କରିବ ?
21ଯେହେତୁ ମନୁଷ୍ୟର ସବୁ ଗତି ସଦାପ୍ରଭୁଙ୍କର ଦୃଷ୍ଟିଗୋଚର ଅଟେ ଓ ସେ ତାହାର ସବୁ ପଥ ସମାନ କରନ୍ତି ।
22ଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ, ସେ ନିଜ ପାପରୂପ ଦୌଡ଼ିରେ ବନ୍ଧା ହେବ ।
23ସେ ଉପଦେଶ ଅଭାବରେ ମରିଯିବ ଓ ଆପଣା ଅଜ୍ଞାନତାର ବୃଦ୍ଧିରେ ଭ୍ରାନ୍ତ ହେବ ।