1ଜ୍ଞାନ ଆପଣା ଗୃହ ନିର୍ମାଣ କରିଅଛି, ସେ ତାହାର ସପ୍ତସ୍ତମ୍ଭ ଖୋଳିଅଛି;
2ସେ ଆପଣା ପଶୁସବୁ ବଧ କରିଅଛି; ସେ ଆପଣା ଦ୍ରାକ୍ଷାରସ ମିଶ୍ରିତ କରିଅଛି; ସେ ଆପଣା ମେଜ ମଧ୍ୟ ସଜାଇଅଛି ।
3ସେ ଆପଣା ଦାସୀମାନଙ୍କୁ ପଠାଇଅଛି, ସେ ନଗରର ସର୍ବୋଚ୍ଚ ସ୍ଥାନରୁ ଡାକି କହେ,
4ଯେଉଁ ଜଣ ଅବୋଧ, ସେ ଏଠାକୁ ଆସୁ; ପୁଣି, ଯେଉଁ ଜନ ନିର୍ବୋଧ, ତାହାକୁ ସେ କହେ,
5"ଆସ, ମୋହର ଭକ୍ଷ୍ୟ ଭୋଜନ କର ଓ ମୋହର ମିଶ୍ରିତ ଦ୍ରାକ୍ଷାରସ ପାନ କର ।"
6ହେ ଅବୋଧ ଲୋକମାନେ, ଅବୋଧମାନଙ୍କର ସଙ୍ଗ ପରିତ୍ୟାଗ କରି ଜୀବନ ରକ୍ଷା କର; ପୁଣି, ସୁବିବେଚନାର ପଥରେ ଚାଲ ।
7ଯେ ନିନ୍ଦକକୁ ଶିକ୍ଷା ଦିଏ, ସେ ଆପେ ଲଜ୍ଜା ପାଏ; ପୁଣି, ଯେ ଦୁଷ୍ଟକୁ ଅନୁଯୋଗ କରେ, ସେ ନିଜେ କଳଙ୍କ ପାଏ ।
8ନିନ୍ଦକକୁ ଅନୁଯୋଗ କର ନାହିଁ, କଲେ, ସେ ତୁମ୍ଭକୁ ଘୃଣା କରିବ, ଜ୍ଞାନୀକୁ ଅନୁଯୋଗ କର, ତହିଁରେ ସେ ତୁମ୍ଭକୁ ପ୍ରେମ କରିବ ।
9ଜ୍ଞାନୀକୁ ଉପଦେଶ ଦେଲେ, ସେ ଆହୁରି ଜ୍ଞାନବାନ୍ ହେବ, ପୁଣି, ଧାର୍ମିକକୁ ଶିକ୍ଷା ଦେଲେ, ତାହାର ପାଣ୍ଡିତ୍ୟ ବୃଦ୍ଧି ପାଇବ ।
10ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ, ପୁଣି, ଧର୍ମସ୍ୱରୂପଙ୍କ ବିଷୟକ ଜ୍ଞାନ ସୁବିବେଚନା ଅଟେ ।
11ଯେହେତୁ ମୋ' ଦ୍ୱାରା ତୁମ୍ଭର ଦିନ ବୃଦ୍ଧି ପାଇବ, ପୁଣି, ତୁମ୍ଭ ଆୟୁର ବର୍ଷ ବଢ଼ିବ ।
12ତୁମ୍ଭେ ଜ୍ଞାନୀ ହେଲେ, ଆପଣା ନିମନ୍ତେ ଜ୍ଞାନୀ ହେବ; ଯଦି ନିନ୍ଦା କର, ଆପେ ତାହା ବହିବ ।
13ଅଜ୍ଞାନା ସ୍ତ୍ରୀଲୋକ କଳିହୁଡ଼ୀ; ସେ ଅବୋଧ ଓ କିଛି ଜାଣେ ନାହିଁ ।
14ସେ ଆପଣା ଗୃହର ଦ୍ୱାର ନିକଟରେ ଓ ନଗରର ଉଚ୍ଚ ସ୍ଥାନରେ ଆସନ ପାରି ବସେ ।
15ସେ ନିକଟ ଦେଇ ନିଜ ନିଜ ପଥରେ ସଳଖେ ଯିବାର ପଥିକମାନଙ୍କୁ ଡାକି କହେ,
16ଯେ ଅବୋଧ, ସେ ଏଠାକୁ ଆସୁ ବୁଦ୍ଧିହୀନ ଲୋକକୁ ସେ ଏହି କଥା କହେ,
17ଚୌର୍ଯ୍ୟଜଳ ମିଷ୍ଟ ଓ ଗୋପନ ଅନ୍ନ ସୁସ୍ୱାଦୁ ।
18ମାତ୍ର ସେହି ଲୋକ ଜାଣେ ନାହିଁ ଯେ, ମୃତ ଲୋକମାନେ ସେଠାରେ ଥା'ନ୍ତି, ପୁଣି, ତାହାର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନରେ ଅଛନ୍ତି ।