1ତହିଁରେ ଆୟୁବ ଉତ୍ତର କରି କହିଲା,
2"ତୁମ୍ଭେ କିପରି ବଳହୀନ ଲୋକର ସାହାଯ୍ୟ କରିଅଛ ! ତୁମ୍ଭେ କିପରି ଦୁର୍ବଳ ବାହୁକୁ ଉଦ୍ଧାର କରିଅଛ !
3ତୁମ୍ଭେ କିପରି ଜ୍ଞାନହୀନ ଲୋକକୁ ପରାମର୍ଶ ଦେଇଅଛ ଓ ପ୍ରଚୁର ରୂପେ ବିଜ୍ଞତା ପ୍ରକାଶ କରିଅଛ !"
4ତୁମ୍ଭେ କାହାକୁ କଥା କହୁଅଛ ? ତୁମ୍ଭଠାରୁ କାହାର ଆତ୍ମା ନିର୍ଗତ ହେଲା ?
5ବିଲ୍ଦଦ୍ ଉତ୍ତର କରି କହିଲା, ପ୍ରେତଗଣ, ଜଳରାଶି ଓ ତନ୍ନିବାସୀଗଣ ତଳେ କମ୍ପିତ ହୁଅନ୍ତି ।
6ତାହାଙ୍କ ସମ୍ମୁଖରେ ପାତାଳ ଅନାବୃତ ଓ ଅବଦ୍ଦୋନର କୌଣସି ଆବରଣ ନାହିଁ ।
7ସେ ଶୂନ୍ୟ ଉପରେ ଉତ୍ତର-କେନ୍ଦ୍ର ପ୍ରସାରନ୍ତି ଓ ଅବସ୍ତୁ ଉପରେ ପୃଥିବୀକି ଝୁଲାନ୍ତି ।
8ସେ ଆପଣା ନିବିଡ଼ ମେଘମାଳରେ ଜଳରାଶିକି ବାନ୍ଧନ୍ତି ଓ ତହିଁ ତଳେ ମେଘ ଚିରି ଯାଏ ନାହିଁ ।
9ସେ ଆପଣା ସିଂହାସନର ମୁଖ ବନ୍ଦ କରନ୍ତି ଓ ତହିଁ ଉପରେ ଆପଣା ମେଘ ବିସ୍ତୀର୍ଣ୍ଣ କରନ୍ତି ।
10ସେ ଦୀପ୍ତି ଓ ଅନ୍ଧକାରର ପ୍ରାନ୍ତ ପର୍ଯ୍ୟନ୍ତ ଜଳରାଶି ଉପରେ ସୀମା ନିର୍ଣ୍ଣୟ କରିଅଛନ୍ତି ।
11ଆକାଶମଣ୍ଡଳର ସ୍ତମ୍ଭସକଳ ତାହାଙ୍କ ଅନୁଯୋଗରେ କମ୍ପିତ ଓ ଚମତ୍କୃତ ହୁଅନ୍ତି ।
12ସେ ଆପଣା ପରାକ୍ରମରେ ସମୁଦ୍ରକୁ ମନ୍ଥନ କରନ୍ତି ଓ ଆପଣା ବୁଦ୍ଧିରେ ରାହବକୁ ବିଦ୍ଧ କରନ୍ତି ।
13ତାହାଙ୍କ ଶ୍ୱାସ ଦ୍ୱାରା ଆକାଶମଣ୍ଡଳ ସୁଶୋଭିତ ହୁଏ; ତାହାଙ୍କ ହସ୍ତ ଶୀଘ୍ରଗାମୀ ନାଗକୁ ବିଦ୍ଧ କରିଅଛି ।
14ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର; ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍ କ୍ଷୀଣ ସ୍ୱର ଶୁଣୁଥାଉ ! ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ ?"