1ଏଥିରେ ମଧ୍ୟ ମୋହର ହୃଦୟ କମ୍ପମାନ ହେଉଅଛି ଓ ସ୍ୱସ୍ଥାନରୁ ଅନ୍ତରିତ ହେଉଅଛି ।
2ତୁମ୍ଭେମାନେ ତାହାଙ୍କ ରବର ଶବ୍ଦ ଓ ତାହାଙ୍କ ମୁଖନିର୍ଗତ ସ୍ୱର ଶୁଣ ।
3ସେ ତାହା ସମୁଦାୟ ଆକାଶର ଅଧଃସ୍ଥାନକୁ ଓ ଆପଣା ବିଜୁଳିକୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପ୍ରେରଣ କରନ୍ତି ।
4ତହିଁ ପଛେ ଏକ ରବ ଗର୍ଜ୍ଜନ କରଇ, ସେ ଆପଣା ମହତ୍ତ୍ୱର ରବରେ ବଜ୍ରନାଦ କରନ୍ତି ଓ ତାହାଙ୍କ ରବ ଶୁଣାଗଲା ବେଳେ ସେ ତାହାସବୁ ନିବୃତ୍ତ କରନ୍ତି ନାହିଁ ।
5ପରମେଶ୍ୱର ଆପଣା ରବରେ ଆଶ୍ଚର୍ଯ୍ୟ ରୂପେ ଗର୍ଜ୍ଜନ କରନ୍ତି; ସେ ଆମ୍ଭମାନଙ୍କ ବୋଧର ଅଗମ୍ୟ ମହତ କାର୍ଯ୍ୟ କରନ୍ତି ।
6କାରଣ ସେ ହିମକୁ କହନ୍ତି, ତୁମ୍ଭେ ପୃଥିବୀରେ ପଡ଼; ସେ ସାମାନ୍ୟ ବୃଷ୍ଟିକି ଓ ଆପଣାର ପ୍ରବଳ ବୃଷ୍ଟିକି ସେହିପରି କହନ୍ତି ।
7ଯେପରି ତାହାଙ୍କର ସୃଷ୍ଟ ସମସ୍ତ ମନୁଷ୍ୟ ତାହା ଜାଣି ପାରିବେ, ଏଥିପାଇଁ ସେ ପ୍ରତ୍ୟେକ ମନୁଷ୍ୟର ହସ୍ତ ମୋହରାଙ୍କିତ କରନ୍ତି ।
8ସେତେବେଳେ ପଶୁମାନେ ଆଶ୍ରୟ ସ୍ଥାନକୁ ଯା'ନ୍ତି ଓ ଆପଣା ଆପଣା ଗହ୍ୱରରେ ରହନ୍ତି ।
9ଦକ୍ଷିଣସ୍ଥ ମଣ୍ଡଳରୁ ବତାସ ଆସେ ଓ ଉତ୍ତରରୁ ଶୀତ ଆସେ ।
10ପରମେଶ୍ୱରଙ୍କ ନିଶ୍ୱାସରେ ହିମାନୀ ଜନ୍ମେ ଓ ଜଳରାଶିର ବିସ୍ତୃତି ସଙ୍କୀର୍ଣ୍ଣ ହୁଏ ।
11ଆହୁରି, ସେ ନିବିଡ଼ ମେଘକୁ ଆର୍ଦ୍ରତାରେ ପୂର୍ଣ୍ଣ କରନ୍ତି; ସେ ଆପଣା ବିଜୁଳିର ମେଘ ବିସ୍ତାର କରନ୍ତି ।
12ଆଉ, ସେ ଯାହା କିଛି ଆଜ୍ଞା କରନ୍ତି, ତାହା ବାସଯୋଗ୍ୟ ଭୂମଣ୍ଡଳରେ ସାଧନ କରିବା ପାଇଁ ତାହାଙ୍କ ଚାଳନ ଦ୍ୱାରା ତାହା ଘୂରେ ।
13ଦଣ୍ଡ ନିମନ୍ତେ, ବା ଆପଣା ଦେଶ ନିମନ୍ତେ, ଅଥବା ଦୟା ନିମନ୍ତେ ହେଉ, ସେ ତାହା ଘଟାନ୍ତି ।
14ହେ ଆୟୁବ, ଏଥିରେ କର୍ଣ୍ଣପାତ କର; ସ୍ଥିର ହୋଇ ଠିଆ ହୁଅ ଓ ପରମେଶ୍ୱରଙ୍କ ଆଶ୍ଚର୍ଯ୍ୟକ୍ରିୟାସବୁ ବିବେଚନା କର ।
15ପରମେଶ୍ୱର କିରୂପେ ସେମାନଙ୍କ ଉପରେ ଆପଣା ଆଜ୍ଞାଭାର ଥୁଅନ୍ତି ଓ ଆପଣା ମେଘର ବିଜୁଳିକୁ ଦୀପ୍ତିମାନ କରନ୍ତି, ଏହା କି ତୁମ୍ଭେ ଜାଣ ?
16ତୁମ୍ଭେ କି ମେଘମାଳର ସମତୌଲ, ପରମ ଜ୍ଞାନୀଙ୍କର ଆଶ୍ଚର୍ଯ୍ୟକ୍ରିୟାସବୁ ଜାଣ ?
17ଦକ୍ଷିଣ ବାୟୁ ସକାଶୁ ପୃଥିବୀ ସ୍ତବ୍ଧ ଥିବା ବେଳେ ତୁମ୍ଭର ବସ୍ତ୍ର କିପରି ଉଷ୍ଣ ହୁଏ ?
18ତୁମ୍ଭେ କି ଛାଞ୍ଚରେ ଢଳା ଦର୍ପଣ ପରି ଦୃଢ ଆକାଶମଣ୍ଡଳକୁ ତାହାଙ୍କ ସଙ୍ଗେ ବିସ୍ତାର କରିପାର ?
19ତାହାଙ୍କୁ କଅଣ କହିବା, ତାହା ଆମ୍ଭମାନଙ୍କୁ ଶିଖାଅ; କାରଣ ଅନ୍ଧକାର ସକାଶୁ ଆମ୍ଭେମାନେ ଆପଣା କଥା ସଜାଇ ପାରୁ ନାହୁଁ ।
20ମୁଁ କଥା କହିବାକୁ ଇଚ୍ଛା କରେ ବୋଲି କି ତାହାଙ୍କୁ କୁହାଯିବ ? ଅବା କୌଣସି ମନୁଷ୍ୟ କି ଗ୍ରାସି ହୋଇ ଯିବାକୁ ଇଚ୍ଛା କରିବ ?
21ପୁଣି, ଏତେବେଳେ ଲୋକମାନେ ଆକାଶସ୍ଥ ତେଜସ୍କର ଦୀପ୍ତି ଦେଖନ୍ତି ନାହିଁ; ମାତ୍ର ବାୟୁ ବହି ତାହା ପରିଷ୍କାର କରେ ।
22ଉତ୍ତର ଦିଗରୁ ସୁବର୍ଣ୍ଣମୟ ଆଭା ଆସେ; ପରମେଶ୍ୱରଙ୍କଠାରେ ଭୟାନକ ମହତ୍ତ୍ୱ ଥାଏ ।
23ସର୍ବଶକ୍ତିମାନ ! ଆମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇ ନ ପାରୁ; ସେ ପରାକ୍ରମରେ ଶ୍ରେଷ୍ଠ; ପୁଣି, ସେ ବିଚାର ଓ ପ୍ରଚୁର ନ୍ୟାୟଗୁଣ ହେତୁ କ୍ଳେଶ ଦେବେ ନାହିଁ ।
24ଏଣୁ ନରଗଣ ତାହାଙ୍କୁ ଭୟ କରନ୍ତି; ଯେଉଁମାନେ ଅନ୍ତଃକରଣରେ ଜ୍ଞାନୀ, ସେ ସେମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ ।"