1ହେ ମୋହର ପରମେଶ୍ୱର, ହେ ମୋହର ପରମେଶ୍ୱର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ ? ମୋତେ ସାହାଯ୍ୟ କରିବାରୁ ଓ ମୋ' ଆର୍ତ୍ତନାଦର ଉକ୍ତିରୁ ତୁମ୍ଭେ କାହିଁକି ଏତେ ଦୂରରେ ରହୁଅଛ ?
2ହେ ମୋହର ପରମେଶ୍ୱର, ମୁଁ ଦିନ ବେଳେ ଡାକେ, ମାତ୍ର ତୁମ୍ଭେ ଉତ୍ତର ଦେଉ ନାହଁ, ଆଉ ରାତ୍ରିକାଳରେ ଡାକେ, ପୁଣି, ନୀରବ ନ ରହେ ।
3ତଥାପି ହେ ଇସ୍ରାଏଲର ପ୍ରଶଂସା-ନିବାସୀନ୍, ତୁମ୍ଭେ ପବିତ୍ର ଅଟ ।
4ଆମ୍ଭମାନଙ୍କ ପିତୃପୁରୁଷଗଣ ତୁମ୍ଭଠାରେ ବିଶ୍ୱାସ କଲେ; ସେମାନେ ବିଶ୍ୱାସ କଲେ, ଆଉ ତୁମ୍ଭେ ସେମାନଙ୍କୁ ଉଦ୍ଧାର କଲ ।
5ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କଲେ ଓ ଉଦ୍ଧାର ପାଇଲେ; ସେମାନେ ତୁମ୍ଭଠାରେ ବିଶ୍ୱାସ କଲେ, ଆଉ ଲଜ୍ଜିତ ନୋହିଲେ ।
6ମାତ୍ର ମୁଁ କୀଟ, ମନୁଷ୍ୟ ନୁହେଁ; ମନୁଷ୍ୟମାନଙ୍କର ନିନ୍ଦାପାତ୍ର ଓ ଲୋକମାନଙ୍କର ଅବଜ୍ଞାତ ।
7ମୋତେ ଦେଖିବା ଲୋକ ସମସ୍ତେ ମୋତେ ପରିହାସ କରନ୍ତି; ସେମାନେ ଓଷ୍ଠ ଲମ୍ବାଇ, ମସ୍ତକ ହଲାଇ କହନ୍ତି,
8"ସଦାପ୍ରଭୁଙ୍କଠାରେ ସେ ଆପଣାକୁ ସମର୍ପଣ କଲା; ସେ ତାହାକୁ ଉଦ୍ଧାର କରନ୍ତୁ; ସେ ତାହାଠାରେ ସନ୍ତୁଷ୍ଟ, ତେଣୁ ସେ ତାହାକୁ ଉଦ୍ଧାର କରନ୍ତୁ ।"
9ମାତ୍ର ତୁମ୍ଭେ ହିଁ ମୋତେ ଗର୍ଭରୁ ବାହାର କରି ଆଣିଅଛ; ମୁଁ ଆପଣା ମାତୃ-କୋଳରେ ଥିବା ସମୟରେ ତୁମ୍ଭେ ମୋହର ବିଶ୍ୱାସ ଜନ୍ମାଇଅଛ ।
10ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି; ମୋହର ମାତାର ଉଦରରୁ ତୁମ୍ଭେ ମୋହର ପରମେଶ୍ୱର ଅଟ ।
11ମୋ'ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; କାରଣ ସଙ୍କଟ ସନ୍ନିକଟ; ସାହାଯ୍ୟକାରୀ କେହି ନାହିଁ ।
12ଅନେକ ବୃଷ ମୋତେ ବେଷ୍ଟନ କରିଅଛନ୍ତି; ବାଶନର ବଳବାନ୍ ବୃଷଗଣ ମୋତେ ଘେରିଅଛନ୍ତି ।
13ସେମାନେ ଗ୍ରାସ କରିବାକୁ ଇଚ୍ଛା ଓ ଗର୍ଜ୍ଜନକାରୀ ସିଂହ ତୁଲ୍ୟ ମୋ' ପ୍ରତି ମୁଖ ମେଲାଇ ଅଛନ୍ତି ।
14ମୁଁ ଜଳ ପରି ଢଳା ହେଉଅଛି ଓ ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି । ମୋହର ହୃଦୟ ମହମ ପରି ହୋଇଅଛି; ତାହା ମୋ' ଅନ୍ତ୍ର ମଧ୍ୟରେ ତରଳି ଯାଏ ।
15ମୋହର ବଳ ଖପରା ପରି ଶୁଷ୍କ ହୋଇଅଛି; ଆଉ, ମୋହର ଜିହ୍ୱା ତାଳୁରେ ଲାଗି ଯାଉଅଛି; ପୁଣି, ତୁମ୍ଭେ ମୋହର ମୃତ୍ୟୁର ଧୂଳିକି ଆଣିଅଛ ।
16କାରଣ କୁକ୍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି; ଦୁରାଚାରୀମାନଙ୍କ ମଣ୍ଡଳୀ ମୋତେ ବେଢ଼ିଅଛନ୍ତି; ସେମାନେ ମୋହର ହସ୍ତ ପାଦ ବିଦ୍ଧ କରିଅଛନ୍ତି ।
17ମୁଁ ଆପଣା ଅସ୍ଥିସବୁ ଗଣିପାରେ; ସେମାନେ ମୋତେ ଅନାଇ ଚାହିଁ ରହିଥା'ନ୍ତି ।
18ସେମାନେ ଆପଣାମାନଙ୍କ ମଧ୍ୟରେ ମୋହର ବସ୍ତ୍ର ବିଭାଗ କରନ୍ତି ଓ ସେମାନେ ମୋ' ଉତ୍ତରୀୟ ବସ୍ତ୍ର ପାଇଁ ଗୁଲିବାଣ୍ଟ କରନ୍ତି ।
19ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ'ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ଆଶ୍ରୟ, ତୁମ୍ଭେ ମୋର ସାହାଯ୍ୟ ପାଇଁ ସତ୍ୱର ହୁଅ ।
20ଖଡ଼୍ଗରୁ ମୋ' ପ୍ରାଣକୁ ଓ କୁକ୍କୁରର ବଳରୁ ମୋହର ଏକମାତ୍ର ଆତ୍ମାକୁ ଉଦ୍ଧାର କର ।
21ସିଂହର ମୁଖରୁ ମୋତେ ନିସ୍ତାର କର; ହଁ, ଅରଣାର ଶୃଙ୍ଗରୁ ରକ୍ଷା କରି ତୁମ୍ଭେ ମୋତେ ଉତ୍ତର ଦେଇଅଛ ।
22ମୁଁ ଆପଣା ଭ୍ରାତୃଗଣ ନିକଟରେ ତୁମ୍ଭ ନାମ ପ୍ରଚାର କରିବି; ସମାଜ ମଧ୍ୟରେ ମୁଁ ତୁମ୍ଭର ପ୍ରଶଂସା କରିବି ।
23ହେ ସଦାପ୍ରଭୁଙ୍କର ଭୟକାରୀଗଣ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର; ହେ ଯାକୁବର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କର ସମାଦର କର; ହେ ଇସ୍ରାଏଲର ବଂଶ, ତୁମ୍ଭେ ସମସ୍ତେ ତାହାଙ୍କ ନିକଟରେ ଭୀତ ହୁଅ ।
24କାରଣ ସେ ଦୁଃଖୀର ଦୁଃଖ ତୁଚ୍ଛ କି ଘୃଣା କରି ନାହାନ୍ତି । କିଅବା ସେ ତାହାଠାରୁ ଆପଣା ମୁଖ ଲୁଚାଇ ନାହାନ୍ତି; ମାତ୍ର ସେ ତାହାଙ୍କୁ ଡାକନ୍ତେ, ସେ ଶୁଣିଲେ ।
25ମହାସମାଜ ମଧ୍ୟରେ ତୁମ୍ଭେ ହିଁ ମୋହର ପ୍ରଶଂସା ଭୂମି; ମୁଁ ତାହାଙ୍କ ଭୟକାରୀମାନଙ୍କ ସାକ୍ଷାତରେ ଆପଣା ମାନତସବୁ ପୂର୍ଣ୍ଣ କରିବି ।
26ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ; ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ ତାହାଙ୍କୁ ପ୍ରଶଂସା କରିବେ; ତୁମ୍ଭମାନଙ୍କ ଅନ୍ତଃକରଣ ନିତ୍ୟଜୀବୀ ହେଉ ।
27ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ ସମ୍ମୁଖରେ ପ୍ରଣାମ କରିବେ ।
28କାରଣ ରାଜ୍ୟ ସଦାପ୍ରଭୁଙ୍କର ଅଟେ; ପୁଣି, ସେ ଗୋଷ୍ଠୀୟମାନଙ୍କର ଶାସନକର୍ତ୍ତା ଅଟନ୍ତି ।
29ପୃଥିବୀସ୍ଥ ପୁଷ୍ଟ ଲୋକ ସମସ୍ତେ ଭୋଜନ କରି ପ୍ରଣାମ କରିବେ; ଧୂଳିରେ ଲୀନ ହେବାକୁ ଉଦ୍ୟତ ସମସ୍ତେ, ଅର୍ଥାତ୍, ଆପଣା ପ୍ରାଣ ବଞ୍ଚାଇବାକୁ ଅସମର୍ଥ ଲୋକ ତାହାଙ୍କ ଛାମୁରେ ମୁହଁ ମାଡ଼ି ପଡ଼ିବେ ।
30ଏକ ବଂଶ ତାହାଙ୍କର ସେବା କରିବେ; ଭବିଷ୍ୟତ ବଂଶକୁ ପ୍ରଭୁଙ୍କ ବିଷୟ କୁହାଯିବ ।
31ସେମାନେ ଆସି ଭବିଷ୍ୟତରେ ଜାତ ହେବା ଲୋକଙ୍କ ନିକଟରେ ତାହାଙ୍କ ଧାର୍ମିକତା ପ୍ରଚାର କରି କହିବେ, ସେ ଏହା ସାଧନ କରିଅଛନ୍ତି ।