1ହେ ଗୋଷ୍ଠୀସକଳ, ଏହା ଶୁଣ, ହେ ଜଗନ୍ନିବାସୀଗଣ,
2ନୀଚ ଓ ଉଚ୍ଚ, ଧନୀ ଓ ଦରିଦ୍ର ସମସ୍ତେ, ଏକତ୍ର କର୍ଣ୍ଣପାତ କର ।
3ମୋହର ମୁଖ ଜ୍ଞାନର କଥା କହିବ ଓ ମୋ' ଅନ୍ତଃକରଣର ଧ୍ୟାନ ବୁଦ୍ଧି ବିଷୟକ ହେବ ।
4ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; ମୁଁ ବୀଣାଯନ୍ତ୍ରରେ ଆପଣା ଗୁପ୍ତ ବିଷୟ ବ୍ୟାଖ୍ୟା କରିବି ।
5ଯେତେବେଳେ ଅଧର୍ମ ମୋ' ଗୋଇଠି ପାଖରେ ମୋତେ ଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି ?
6ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି;
7ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ ହେବା ପାଇଁ, କ୍ଷୟ ନ ଦେଖିବା ପାଇଁ କୌଣସିମତେ ତାହାକୁ ମୁକ୍ତ କରି ନ ପାରେ ।
8କିଅବା ତାହା ପାଇଁ ପରମେଶ୍ୱରଙ୍କୁ କୌଣସି ପ୍ରାୟଶ୍ଚିତ୍ତ ଦେଇ ନ ପାରେ;
9କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ ଓ ଅନନ୍ତକାଳ ଅସାଧ୍ୟ ।
10ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି, ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯା'ନ୍ତି ।
11ସେମାନଙ୍କ ଗୃହ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି ।
12ମାତ୍ର ମନୁଷ୍ୟ ଐଶ୍ୱର୍ଯ୍ୟରେ ସ୍ଥିର ରହେ ନାହିଁ; ସେ ବିନାଶ୍ୟ ପଶୁ ତୁଲ୍ୟ ।
13ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ; ତଥାପି ସେମାନଙ୍କ ଉତ୍ତାରେ ଲୋକମାନେ ସେମାନଙ୍କ କଥା ପସନ୍ଦ କରନ୍ତି । [ସେଲା]
14ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; ମୃତ୍ୟୁ ସେମାନଙ୍କର ପାଳକ ହେବ; ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ; ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ ।
15ମାତ୍ର ପରମେଶ୍ୱର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ; କାରଣ ସେ ମୋତେ ଗ୍ରହଣ କରିବେ । [ସେଲା]
16କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ୱର୍ଯ୍ୟ ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ;
17କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; ତାହାର ଐଶ୍ୱର୍ଯ୍ୟ ତାହାର ପଶ୍ଚାଦ୍ଗମନ କରିବ ନାହିଁ ।
18ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର ଧନ୍ୟବାଦ କଲା, ଆଉ, ତୁମ୍ଭେ ଆପଣାର ଭଲ କଲେ, ଲୋକେ ତୁମ୍ଭର ପ୍ରଶଂସା କରନ୍ତି;
19ତଥାପି ସେ ଆପଣା ପିତୃପୁରୁଷଗଣ ନିକଟକୁ ଯିବ; ସେମାନେ କଦାଚ ଦୀପ୍ତି ଦେଖିବେ ନାହିଁ ।
20ଯେଉଁ ମନୁଷ୍ୟ ଐଶ୍ୱର୍ଯ୍ୟଶାଳୀ ହୋଇ ବିବେଚନା ନ କରେ, ସେ ବିନାଶ୍ୟ ପଶୁ ତୁଲ୍ୟ ।